ଭୁବନେଶ୍ବର: ଖୋର୍ଧା ଜିଲ୍ଲାରେ ‘ଓଡ଼ିଶା ପାଇକ ଏକାଡେମି ଓ ଗବେଷଣା କେନ୍ଦ୍ର’ ପ୍ରତିଷ୍ଠା ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୂହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ କାର୍ଯ୍ୟ କରିବ। ଏହା ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ପ୍ରତିଷ୍ଠା ହେବ। ଏକାଡେମି ଓ ଗବେଷଣା କେନ୍ଦ୍ର ଦେଶବିଦେଶରେ ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ପାଇକମାନଙ୍କ ସାମୂହିକ ବିକାଶ ପାଇଁ ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ ଓ ଗବେଷଣାର ବ୍ୟବସ୍ଥା ରହିବ। ଶିକ୍ଷାର୍ଥୀମାନଙ୍କ ପାଇଁ ଛାତ୍ର ବୃତ୍ତିର ମଧ୍ୟ ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଏହି କେନ୍ଦ୍ର ଗଡ଼ ଖୋର୍ଧାଠାରେ ଅସ୍ଥାୟୀ ଭାବରେ କାର୍ଯ୍ୟ କରିବ। ପରେ ଯଥାଶୀଘ୍ର ଏହି କେନ୍ଦ୍ର ପାଇଁ ସ୍ଥାନ ନିରୂପଣ ଓ ଡି.ପି.ଆର୍‌. ପ୍ରଦାନ କରିବା ପାଇଁ ଖୋର୍ଧା ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ସହାୟକ ହେବ
ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ, ଗବେଷଣା ଓ ଛାତ୍ରବୃତ୍ତି ବ୍ୟବସ୍ଥା

ପ୍ରକାଶଯୋଗ୍ୟ, ୧୮୧୭ ମସିହାରେ ଖୋର୍ଧା ମାଟିରେ ବକ୍ସି ଜଗବନ୍ଧୁଙ୍କ ନେତୃତ୍ବରେ ସଂଗଠିତ ହୋଇଥିଲା ପାଇକ ବିଦ୍ରୋହ। ଇଂରେଜ ଶାସନ ବିରୋଧରେ ଏହା ଥିଲା ଦେଶର ପ୍ରଥମ ବିଦ୍ରୋହ ବୋଲି ଐତିହାସିକମାନେ ମତପ୍ରକାଶ କରନ୍ତି। ଏହି ମହାନ ପାଇକ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ସହ ଏ ଦିଗରେ ଅଧିକ ଗବେଷଣା ପାଇଁ ଓଡ଼ିଶା ପାଇକ ଏକାଡେମି ଓ ଗବେଷଣା କେନ୍ଦ୍ର ମାର୍ଗ ପ୍ରଶସ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୫ଟି ସଚିବ ଭି.କେ. ପାଣ୍ଡିଆନ ଅଗଷ୍ଟ ଶେଷ ସପ୍ତାହରେ ଖୋର୍ଧା ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ପାଇକ ସଂଗଠନର ସଦସ୍ୟମାନଙ୍କୁ ଭେଟିଥିଲେ। ପାଇକ ପରମ୍ପରାର ସୁରକ୍ଷା ଓ ପ୍ରସାର ସମ୍ପର୍କରେ ତାଙ୍କ ସହିତ ଆଲୋଚନା ମଧ୍ୟ କରିଥିଲେ।