ମନରେଗା ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟତା: ୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

୩ ମାସ ପାଇଁ ପ୍ରତି ଦିନର ମଜୁରି ସହିତ ଅଧିକ ୫୦ ଟଙ୍କା
ଗରିବ ଲୋକଙ୍କ କଲ୍ୟାଣ କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦିଏ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଏହି ସହାୟତା ପ୍ରଦାନ କରିଥିଲେ। ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ ତିନି ମାସ ମଧ୍ୟରେ କାମ କରିଥିବା ଶ୍ରମିକମାନଙ୍କୁ ସେମାନଙ୍କର ପ୍ରତ୍ୟେକ ଦିନର ମଜୁରି ସହିତ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଯାଇଛି। ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଟଙ୍କା ଜମା କରାଯାଇଛି। ଏହାଦ୍ବାରା ପ୍ରତ୍ୟେକ ଶ୍ରମିକ ୪୫୦୦ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି ଏବଂ ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି। ଗରିବ ଲୋକଙ୍କ କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ। ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାଯ୍ୟ କରିବ ବୋଲି ଆଶା ପ୍ରକାଶ କରିଥିଲେ। ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲ୍ଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କୁ ରୋଜଗାର ଦେବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। କରୋନାର ଦ୍ଵିତୀୟ ଲହର ସମ୍ପୂର୍ଣ୍ଣ ଶେଷ ହୋଇନାହିଁ ବୋଲି ଦୋହରାଇ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଟିକା ନେବାକୁ ଓ କୋଭିଡ ନିୟମ ମାନିବାକୁ ଅନୁରୋଧ କରିଥିଲେ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡର ଦ୍ଵିତୀୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏଥିରେ ଶ୍ରମିକମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି। ନରେଗାରେ ଗତ ବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଦ୍ଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ ରଖାଯାଇଛି।

ଏହି ଅବସରରେ ପଞ୍ଚାଯତିରାଜ ମନ୍ତ୍ରୀ ପ୍ରତାପ ଜେନା ଗରିବ, କୃଷକ, ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତିକୁ ସୁଦୃଢ କରିବ ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ଓ ରାଉରକେଲା ବିଧାୟକ ସାରଦା ନାୟକ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି କେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ମୁଖ୍ୟ ଶାସନ ସଚିବ ସୁ‌ରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିସନର ପି କେ ଜେନା, କୃଷି ଉତ୍ପାଦନ କମିସନର୍‌ ଆର୍‌ କେ ଶର୍ମାଙ୍କ ସମେତ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟର ୩୧୪ ଟି ବ୍ଲକର ନରେଗା ଶ୍ରମିକମାନେ ଭିଡିଓ କନଫରେନ୍ସିଂ ଯୋଗେ ଯୋଡ଼ି ହୋଇଥିଲେ। ଗଞ୍ଜାମର ନିକି ଆମ୍ମା ଓ କୈଳାଶ ଗଉଡ଼, କୋରାପୁଟର ସୁରେଶ ବାଖିଆ, ତପନ କୁମାର ନାଗ, କଳାହାଣ୍ଡିର ସିତି ପୂଜାରୀ ଓ ଗଜ ମାଝୀ, ମୟୂରଭଞ୍ଜର ଶିବରାମ ସୋରେନ ଓ ସୁକାନ୍ତି ମୁର୍ମୁ ପ୍ରମୁଖ ହିତାଧିକାରୀ ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ।

ସମ୍ବନ୍ଧିତ ଖବର