ଭଦ୍ରକ ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ଭୁବନେଶ୍ବର/ଭଦ୍ରକ/ଧାମରା/ଆରଡ଼ି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଶୁକ୍ରବାର ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଧାମରା ବନ୍ଦର ଓ ପ୍ରସିଦ୍ଧ ଶୈବପୀଠ ଆରଡ଼ି ଧାମ ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନସଚିବ ଓ ୫-ଟି ସଚିବ ପ୍ରଥମେ ଧାମରାରେ ପହଞ୍ଚି ଜାମୁଝାଡିରୁ ଧାମରା ପର୍ଯ୍ୟନ୍ତ ଦୁଇଥାକିଆ ରାସ୍ତା ନିର୍ମାଣ କାର୍ଯ୍ୟ, ଚାନ୍ଦବାଲିରୁ ଧାମରା ପର୍ଯ୍ୟନ୍ତ ସଡ଼କ ସଂଯୋଗ  ପାଇଁ ମନ୍ତେଇ ନଦୀ ସେତୁ କାର୍ଯ୍ୟ, ଭଦ୍ରକ-ଧାମରା ରେଳଲାଇନ୍‌ର ଦୋହରୀକରଣ, ଧାମରାଠାରେ ବନ୍ଦରଭିତ୍ତିକ ଶିଳ୍ପାଞ୍ଚଳ ପ୍ରତିଷ୍ଠା, ବାଲିମୁଣ୍ଡାଠାରେ ଏୟାରଷ୍ଟ୍ରିପ୍ ନିର୍ମାଣ, ଧାମରା ବନ୍ଦରରେ ଏଲ୍ଏନ୍‌ଜି ଗ୍ୟାସ ଟର୍ମିନାଲ ଓ ପାଇପ ଯୋଗେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଗ୍ୟାସ୍‌ ଯୋଗାଣ ପାଇଁ ଟାଙ୍କି ନିର୍ମାଣ ଆଦି କାର୍ଯ୍ୟର ସମୀକ୍ଷା କରିଥିଲେ।

ଜାମୁଝାଡ଼ିରୁ ଧାମରା ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଅବଶିଷ୍ଟ କାମ ତ୍ୱରାନ୍ୱିତ କରି ନିର୍ଦ୍ଧାରିତ ସମୟ ପୂର୍ବରୁ ସାରିବାକୁ ମୁଖ୍ୟ ଶାସନସଚିବ ପୂର୍ତ୍ତ ବିଭାଗ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଚଳିତବର୍ଷ ଡିସେମ୍ବର ଶେଷସୁଦ୍ଧା ମନ୍ତେଇ ନଦୀ ସେତୁ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ବନ୍ଦରଭିତ୍ତିକ ଶିଳ୍ପାଞ୍ଚଳ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ୧୨୦୦ ଏକର ଜମି ଓ ଧାମରା ଏୟାରଷ୍ଟ୍ରିପ୍ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ। ବନ୍ଦରରେ ବାର୍ଷିକ ୫ ନିୟୁତ କ୍ଷମତା ବିଶିଷ୍ଟ ଏଲ୍ଏନ୍‌ଜି ଗ୍ୟାସ୍ ଟର୍ମିନାଲ୍ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସନ୍ତୋଷଜନକ। ଏଥିରେ ପ୍ରାୟ ୬୫୦୦ କୋଟି ଟଙ୍କା ବିନିଯୋଗ ସାଙ୍ଗକୁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ଏବଂ ଏହି ଟର୍ମିନାଲ ଓଡ଼ିଶା ସମେତ ଭାରତର ପୂର୍ବ ଓ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟମାନଙ୍କୁ ଗ୍ୟାସ୍ ପରିବହନରେ ସହାୟକ ହେବ।

ପରେ ଉଭୟ ସଚିବ ଆରଡ଼ିଧାମ ଯାଇ ଆଖଣ୍ଡଳମଣି  ମନ୍ଦିର ଓ ଚତୁଃପାର୍ଶ୍ୱ ବିକାଶ ପ୍ରକଳ୍ପର କ୍ଷେତ୍ରସ୍ତରୀୟ କାର୍ଯ୍ୟାନ୍ୱୟନ ସମୀକ୍ଷା  କରିଥିଲେ।  ପ୍ରଥମ ପର୍ଯ୍ୟାୟରେ ହାତକୁ ନିଆଯାଇଥିବା ମନ୍ଦିରର ନୂଆ ସିଂହଦ୍ୱାର ନିର୍ମାଣ, ଶ୍ରାବଣ ମାସରେ ବାବା ଆଖଣ୍ଡଳମଣିଙ୍କ ଜଳାଭିଷେକ ପାଇଁ ଶ୍ରାବଣୀ ମଣ୍ଡପ ନିର୍ମାଣ, ଗଣେଶ ମଣ୍ଡପର ନବୀକରଣ, ଟ୍ରଷ୍ଟ୍ କାର୍ଯ୍ୟାଳୟ, ମନ୍ଦିର ଭିତରୁ ଜଳ ନିଷ୍କାସନ, ମନ୍ଦିର ବେଢ଼ା ଭିତରେ ଖଣ୍ଡାଲାଇଟ୍ ପଥର ଦ୍ୱାରା ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ, ମନ୍ଦିରର ନୂଆ ପାଚେରି ନିର୍ମାଣ, ମନ୍ଦିରର ଚାରି ପାଖରେ ଥିବା ଗୁମୁଟର ନବୀକରଣ ଓ ବୃକ୍ଷରୋପଣ ଆଦି କାର୍ଯ୍ୟ ଆରମ୍ଭ କରାଯାଇଛି। ଏସବୁ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୬ କୋଟି ଟଙ୍କା ରାଜ୍ୟ ସରକାରଙ୍କ ତରଫରୁ ଯୋଗାଇ ଦିଆଯାଇଛି। ଏହିସବୁ କାମ ନଭେମ୍ବର ୩୦ ତାରିଖ ସୁଦ୍ଧା ସାରିବା ପାଇଁ ୫-ଟି ସଚିବ ଶ୍ରୀ ପାଣ୍ଡିଆନ୍ ସଂପୃକ୍ତ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ପ୍ରକଳ୍ପର ଦ୍ବିତୀୟ ପର୍ଯ୍ୟାୟ ପାଇଁ  ଶ୍ରୀ ମହାପାତ୍ର ଓ ଶ୍ରୀ ପାଣ୍ଡିଆନ୍ ମନ୍ଦିରର ସେବାୟତ ଏବଂ ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରିଥିଲେ। ଆରଡ଼ି ମନ୍ଦିରକୁ ସଡ଼କ ସଂଯୋଗ ପାଇଁ ସାଳନ୍ଦୀ ନଦୀ ତିନିତର ଘାଟ ନିକଟରେ ସେତୁ ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବା ପାଇଁ  ନିର୍ଦ୍ଦେଶ ଦେଇଥିଲେ। ବୈତରଣୀ ନଦୀ ଉପରେ ପୋଲ ନିର୍ମାଣ ଓ ସେବାୟତମାନଙ୍କର ଅଭାବ ଅସୁବିଧା ଆଦି ବିଷୟରେ ଏହି ଦୁଇ ଅଧିକାରୀ ଅବଗତ ହୋଇଥିଲେ। ଏ ବିଷୟକୁ ସରକାର ସହୃଦୟତାର ସହ ବିଚାର କରି ନିଷ୍ପତ୍ତି ନେବେ ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର  କହିଥିଲେ। ପ୍ରସିଦ୍ଧ ଆରଡ଼ି ପୀଠର ସର୍ବାଙ୍ଗୀନ ବିକାଶ ପାଇଁ ୫-ଟି ଶାସନ ସଚିବ ଶ୍ରୀ ପାଣ୍ଡିଆନ୍ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଏହି ଗସ୍ତ ସମୟରେ ଭଦ୍ରକ ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର,ଏସ୍‌ପି ଚରଣ ସିଂ ମୀନାଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଆବଶ୍ୟକ ତଥ୍ୟ ଉପସ୍ଥାପନ କରିଥିଲେ।

ସମ୍ବନ୍ଧିତ ଖବର