ଝାରସୁଗୁଡା: ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିହ । ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ାରେ କ୍ଷତିଗ୍ରସ୍ତ ହୋଇଥିବା ୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହାଦ୍ବାରା ବିସ୍ଥାପିତଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହେବ । ସେହିପରି ଆଜି ମୁଖ୍ୟମନ୍ତ୍ରୀ ଝାରସୁଗୁଡାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବାବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା ।

Advertisment

ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟି ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ। ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ।

ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାର୍ବତୀଗିରି ମେଗା ଲିଫ୍‌ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହାସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳକୁ ଜଳସେଚନର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।