କର୍ଲାପାଟରେ ହାତୀ ମୃତ୍ୟୁକୁ ରୋକିବା ପାଇଁ ଜାତୀୟସ୍ତରର ବିଶେଷଜ୍ଞମାନଙ୍କ ପରାମର୍ଶ ନେବାକୁ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର କର୍ଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଘଟୁଥିବା ହାତୀ ମୃତ୍ୟୁ ସଂପର୍କରେ ସମୀକ୍ଷା କରି ଏହି ଘଟଣାରେ ଘୋର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସଂପଦ ବିଭାଗ ମିଳିତ ଭାବେ ପଦକ୍ଷେପ ନେଇ ହାତୀ ମୃତ୍ୟୁ ରୋକିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ଷେତ୍ରରେ ରାଜ୍ୟ ତଥା ଦେଶର ବିଶେଷଜ୍ଞମାନଙ୍କ ପରାମର୍ଶ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଅଭୟାରଣ୍ୟ ଓ ତାର ଆଖପାଖ ଅଞ୍ଚଳରେ ଥିବା ଗ୍ରାମ ଗୁଡିକରେ ଥିବା ଗୃହପାଳିତ ପଶୁମାନଙ୍କର ଟୀକାକରଣ ସୁନିଶ୍ଚିତ କରିବାପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ, ଡିଏଫଓ ଓ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଭୟାରଣ୍ୟରେ ଥିବା ସମସ୍ତ ଜଳାଶୟଗୁଡିକୁ ତୁରନ୍ତ ବିଶୋଧନ କରିବା ଏବଂ ଜଳର ନମୂନା ତୁରନ୍ତ ପରୀକ୍ଷା କରିବା ସହିତ ନିୟମିତ ପରୀକ୍ଷା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରୁ ଜଣାଯାଇଥିଲା ଯେ, କଳାହାଣ୍ଡିର କର୍ଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଗତ ଦୁଇ ସପ୍ତାହ ମଧ୍ୟରେ ୬ଟି ହାତୀଙ୍କର ମୃତ୍ୟୁ ହୋଇଛି। ବିଶେଷଜ୍ଞମାନଙ୍କ ମତ ଅନୁଯାୟୀ ଏହି ହାତୀଗୁଡିକ ପାଷ୍ଟେୟୁରେଲା ମଲ୍ଟୋସିଡା ନାମକ ଏକ ଜୀବାଣୁ ଦ୍ବାରା ସଂକ୍ରମିତ ହୋଇ ହେମୋରାଜିକ୍ ସେପ୍ଟିସେମିଆ ରୋଗରେ ମୃତ୍ୟୁବରଣ କରିଛନ୍ତି । ଏହି ଦଳରେ ସମୁଦାୟ ୮ଟି ହାତୀରୁ ୬ଟିର ମୃତ୍ୟୁ ଘଟିଛି ।

Image result for naveen patnaik
The Economic Times

ଏହି ଅଞ୍ଚଳରେ ଆଉ ଦୁଇଟି ହାତୀ ଦଳ ରହିଛନ୍ତି । ସେହି ଦଳଗୁଡିକୁ ଟ୍ରାକ୍‌ କରାଯାଇ ସେମାନେ ଯେପରି ସଂକ୍ରମିତ ଦଳର ସଂସ୍ପର୍ଶରେ ନ ଆସିବେ, ସେଥିପାଇଁ ପଦକ୍ଷେପ ନିଆଯାଉଛି । ଏହାସହିତ ଏହି ଅଞ୍ଚଳରେ ଥିବା ୪୩ଟି ଜଳାଶୟରୁ ୨୫ଟି ଜଳାଶୟର ବିଶୋଧନ କରାଯାଇଛି ଏବଂ ବାକି ଗୁଡ଼ିକର ବିଶୋଧନ କରାଯାଉଛି। ହାତୀମାନଙ୍କର ଚଳପ୍ରଚଳ ଉପରେ ନଜର ରଖିବା ପାଇଁ ରେଞ୍ଜ୍‌ ଅଫିସର, ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଦୁଇଟି ଜୋନ୍‌କୁ ନେଇ ୧୦ଟି ଟିମ୍‌ ଗଠନ କରାଯାଇଛି । ଜଙ୍ଗଲ ବିଭାଗ ଓ ପଶୁସଂପଦ ବିଭାଗରୁ ଦୁଇଟି ରାଜ୍ୟସ୍ତରୀୟ ବିଶେଷଜ୍ଞ ଟିମ୍‌ ଗଠନ କରାଯାଇ ପରିସ୍ଥିତିକୁ ଆକଳନ କରାଯିବା ସହିତ ଅନ୍ୟାନ୍ୟ ପଦକ୍ଷେପ ନିଆଯାଉଛି । ଅଭୟାରଣ୍ୟ ଓ ତାର ଆଖପାଖ ଗାଁ ଗୁଡିକରେ ଗୃହପାଳିତ ପଶୁଗୁଡିକର ଟୀକାକରଣ କରାଯାଉଛି।

ପ୍ରୋଜେକ୍ଟ ଏଲିଫ୍ୟାଣ୍ଟର ଆଇଜି ଏବଂ ୱାଇଲଡ ଲାଇଫ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ନିର୍ଦ୍ଦେଶକଙ୍କୁ ଓଡ଼ିଶାକୁ ଏକ ଟିମ୍‌ ପଠାଇ ପ୍ରତିରୋଧକ ବ୍ୟବସ୍ଥା ଓ ପରାମର୍ଶ ପାଇଁ ଅନୁରୋଧ କରାଯାଇଛି ।ଏହି ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ଏବଂ ଜଙ୍ଗଲ ବିଭାଗର ବରିଷ୍ଠ ଅଫିସରମାନେ ଉପସ୍ଥିତ ଥିଲେ । କଳାହାଣ୍ଡିରୁ ପିିସିସିଏଫ ଏବଂ ଜିଲ୍ଲାପାଳ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇଥିଲେ ।

ସମ୍ବନ୍ଧିତ ଖବର