ପାଠ ହେଉ ବା ଖେଳ ନିଜ ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ ପାଇଁ ଚେଷ୍ଟା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Advertisment

ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିନ: ୫ଟି ଜିଲ୍ଲାର ୪୪୫ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିନ: ୫ଟି ଜିଲ୍ଲାର ୪୪୫ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

୨୦୩୬ ସୁଦ୍ଧା ସଶକ୍ତ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍କୁଲ ଗୁଡିକର କାୟାକଳ୍ପ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକରାତ୍ମକ ପ୍ରଭାବ ପକାଇଛି। ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବା ଆମ ପାଇଁ ଆଗ ଅପେକ୍ଷା ବହୁତ ସହଜ ହୋଇଛି। ଇଣ୍ଟରନେଟ ଜରିଆରେ ସବୁ ବିଷୟରେ ଆମେ ତୁରନ୍ତ ତଥ୍ୟ ପାଇପାରୁଛୁ। ଏହାଦ୍ବାରା ପଢିବାରେ ଆମର ଆଗ୍ରହ ବଢିବା ସହିତ ଆମର ଆତ୍ମବିଶ୍ବାସ ମଧ୍ୟ ବୃଦ୍ଧି ପାଇଛି ବୋଲି ପିଲାମାନେ ମତବ୍ୟକ୍ତ କରିଛନ୍ତି। ସେମାନେ କହିଛନ୍ତି ଯେ ନୂତନ ଆଧୁନିକ ସୁବିଧା ସହିତ ସ୍କୁଲକୁ ନୂଆ ରାସ୍ତା, ମାଗଣା ବିଜୁଳି ଓ ଇଣ୍ଟରନେଟ୍‌ ସୁବିଧା ଯୋଗୁ ସ୍କୁଲ ଏବେ ଆମର ସବୁଠାରୁ ପସନ୍ଦର ସ୍ଥାନ ହୋଇଛି।

ଆଜି ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ପିଲାମାନଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ପିଲାଙ୍କ ଖୁସି ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି । ସମସ୍ତେ ସ୍କୁଲର ନୂଆ ପରିବେଶରେ ବେଶ ଖୁସି ହେବା ସହିତ ସ୍କୁଲ ଏବେ ଘର ଅପେକ୍ଷା ସେମାନଙ୍କ ପାଇଁ ଅଧିକ ପସନ୍ଦର ସ୍ଥାନ ବୋଲି ପ୍ରକାଶ କରିଛନ୍ତି। ଏହି ଅବସରରେ ଆଲୋଚନାରେ ଭାଗ ନେଇ ବାଲେଶ୍ବରରୁ ପ୍ରଜ୍ଞାସ୍ମିତା, ପୁରୀରୁ ସ୍ବୟଂସ୍ନିଗ୍ଧା, ନୟାଗଡରୁ ପ୍ରତ୍ୟାଶା, ଜଗତସିଂହପୁରରୁ ବିନ୍ଦୁଜା ଓ ଭଦ୍ରକରୁ ସୋନାଲି ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣନା କରିଥିଲେ ବେସରକାରୀ ସ୍କୁଲ ଠାରୁ ଆମ ସ୍କୁଲ ଏବେ ବହୁ ଆଗରେ ବୋଲି ପିଲାମାନେ ମତ ଦେଇଥିଲେ ।

publive-image

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୪୪୫ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। ବାଲେଶ୍ବର ଜିଲ୍ଲାର ୧୩୫ଟି ହାଇସ୍କୁଲ, ପୁରୀର ୯୫ଟି, ନୟାଗଡର ୬୦ଟି, ଜଗତସିଂହପୁରର ୭୫ଟି ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି।

ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ରୂପାନ୍ତର ସେମାନଙ୍କ ମାନସିକ ସ୍ତରରେ ମଧ୍ୟ ପରିବର୍ତ୍ତନ ଆଣିଛି। ସେମାନେ ଆଗ ଅପେକ୍ଷା ଅଧିକ ଆତ୍ମବିଶ୍ବାସର ସହ ନୂଆ ଆଶା ଓ ସଂକଳ୍ପ ନେଇ ଆଗକୁ ବଢୁଛନ୍ତି । ଏହା ଓଡିଶାର ଭବିଷ୍ୟତ ପାଇଁ ଏକ ଶୁଭ ସଂକେତ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ତେଣୁ ପାଠ ହେଉ ବା ଖେଳ ନିଜ ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ.

ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରି, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ।
ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ମନ୍ତ୍ରୀ ଅଶ୍ବିନୀ ପାତ୍ର, ମନ୍ତ୍ରୀ ସମୀର ରଞ୍ଜନ ଦାଶ, ବିଧାୟକ ଡଃ ଅରୁଣ କୁମାର ସାହୁ, ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି ଓ ବିଧାୟକ ଡଃ ବ୍ୟୋମକେଶ ରାୟ ପ୍ରମୁଖ ସେମାନଙ୍କ ଭାଷଣ ରେ ସ୍କୁଲ ରୂପାନ୍ତର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତନ ଆଣିଛି ବୋଲି ମତ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe