ରେସନ କାର୍ଡ ଆବେଦନଠାରୁ ଧାନ ସଂଗ୍ରହ ପଞ୍ଜୀକରଣ ପର୍ଯ୍ୟନ୍ତ ଏଣିକି ସବୁ ଅନ୍‌ଲାଇନ୍

ହିତାଧିକାରୀଙ୍କ ସୁବିଧା ପାଇଁ ବ୍ୟାପକ ସଚେତନତା ଅଭିଯାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା- ଜଣେ ବି ଗରିବ ଲୋକକୁ ମୁଁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବାକୁ ଦେବି ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବିଚାରଧାରାକୁ କାର୍ଯ୍ୟରେ ପରିଣତ କରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଧାନ ସଂଗ୍ରହ ପଞ୍ଜୀକରଣଠାରୁ ଆରମ୍ଭ କରି ରେସନ କାର୍ଡ ଆବେଦନ ପର୍ଯ୍ୟନ୍ତ ସବୁ କାର୍ଯ୍ୟ ପାଇଁ ଅନ୍‌ଲାଇନ୍ ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଲୋକମାନେ ଏବେ ଘରେ ବସି ସବୁ ସୁବିଧା ପାଇପାରିବେ।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଏହି କାର୍ଯ୍ୟର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାକୁ ସ୍ୱଚ୍ଛତା ଓ ଦକ୍ଷତା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବର୍ଣ୍ଣନା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସହିତ ରାଜ୍ୟ ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଏନ୍‌ଏସ୍‌ଏଫ୍‌ଏରୁ ବାଦ୍‌ ପଡିଥିବା ୨୫ ଲକ୍ଷ ଲୋକଙ୍କୁ ସାମିଲ କରିଛନ୍ତି। ସାରା ରାଜ୍ୟରେ ସାଢେ ତିନି କୋଟିରୁ ଅଧିକ ଲୋକ ଖାଦ୍ୟ ସୁରକ୍ଷାରେ ସାମିଲ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସାରା ରାଜ୍ୟର ଲୋକ ଏହି ବିଭାଗ ସହିତ ସିଧାସଳଖ ଯୋଡି ହୋଇ ରହିଛନ୍ତି। ତେଣୁ ସାଧାରଣ ଲୋକ ପରିବର୍ତ୍ତନର ସୁଫଳ ଯେପରି ଠିକ୍‌ ଭାବରେ ପାଇପାରିବ। ସେଥିପାଇଁ ଅନ୍‌ଲାଇନ ବ୍ୟବସ୍ଥା ସଂପର୍କରେ ବ୍ୟାପକ ସଚେତନତା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ। ମାସକ ମଧ୍ୟରେ କେତେ ଲୋକ ଏହି ଅନ୍‌ଲାଇନ ସୁବିଧାର ବ୍ୟବହାର କଲେ, ସେ ସଂପର୍କରେ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ଖାଦ୍ୟ ସୁରକ୍ଷା ଦିଗରେ ଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶାରେ ଯେଉଁ ବ୍ୟାପକ ପରିବର୍ତ୍ତନ ଆସିଛି, ସେ ସଂପର୍କିତ ସମସ୍ତ ତଥ୍ୟ ସମ୍ବଳିତ ଏକ ପୁସ୍ତକ ‘ମେକିଂ ଅଫ୍‌ ଏ ଫୁଡ୍‌ ସିକ୍ୟୋର ଓଡ଼ିଶା’କୁ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ।

ସୂଚନାଯୋଗ୍ୟ ଯେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ୪ଟି ସେବା ପାଇଁ ଅନ୍‌ଲାଇନ୍‌ ବ୍ୟବସ୍ଥା ଆରମ୍ଭ କରାଯାଇଛି। ଏଗୁଡିକ ହେଲା – ଧାନ ବିକ୍ରୟ ପାଇଁ ଚାଷୀ ମାନଙ୍କ ପଞ୍ଜୀକରଣ, ରେସନ କାର୍ଡ ପାଇଁ ଆବେଦନ ଓ ସଂଶୋଧନ ଇତ୍ୟାଦି, ସୁଲଭ ମୂଲ୍ୟ ଦୋକାନ ପାଇଁ ଲାଇସେନ୍‌ସ ଫି ପ୍ରଦାନ ଏବଂ ସୁଲଭ ମୂଲ୍ୟ ଦୋକାନ ମାନଙ୍କ ଦ୍ଵାରା ଖାଦ୍ୟଶସ୍ୟର ମୂଲ୍ୟ ପ୍ରଦାନ। ଏସବୁ ସୁବିଧା ଗୁଡିକ www.foododisha.inରେ Cetizen Services ଲିଙ୍କ୍‌ରେ ମିଳିପାରିବ।

ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଲେ ଯେ ୫ଟି କାର୍ଯ୍ୟକ୍ରମ ଅଧୀନରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ବିଭାଗ ପ୍ରତିଶୃତିବଦ୍ଧ ହୋଇ କାର୍ଯ୍ୟ କରୁଛି। ଆଜିର ଏହି ଅନ୍‌ଲାଇନ ସେବା ଗୁଡିକ ଏ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସଚିବ ବୀର ବିକ୍ରମ ଯାଦବ ସମସ୍ତଙ୍କୁ ସ୍ୱାଗତ କରି ନୂତନ ସେବା ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ। ବିଭାଗର ଯୁଗ୍ମ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏ.କେ ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ। ବିଭିନ୍ନ ଜିଲ୍ଲାପାଳ ଏବଂ ଖାଦ୍ୟ ଯୋଗାଣ ବିଭାଗର କ୍ଷେତ୍ର କର୍ମଚାରୀମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

ସମ୍ବନ୍ଧିତ ଖବର

Comments are closed.