ଭୁବନେଶ୍ବର: ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାର ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ ଉଚ୍ଚ ନୈତିକ ମୂଲ୍ୟବୋଧ ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏଥିରେ ବିଭିନ୍ନ କ୍ଷେତ୍ରରେ ଅଧିକାରୀ, ଯଥା - ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡ଼ି ସୁପରଭାଇଜର, ପୁଲିସ ଇନ୍ସପେକ୍ଟର, ରେଭେନ୍ୟୁ ସୁପରଭାଇଜର ପ୍ରମୁଖ ଅନ୍ତର୍ଭୁକ୍ତ। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଏହି ୫ ଜଣଙ୍କ ମଧ୍ୟରୁ ମୟୂରଭଞ୍ଜ ଜିଲ୍ଲା ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ତାଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ରହିଛି। ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ଏହି ଆୟ ବହିର୍ଭୂତ ସମ୍ପତ୍ତି ମଧ୍ୟରେ ୪୧.୭୭ ଲକ୍ଷ ଟଙ୍କା ତାଙ୍କ ଘରୁ ନଗଦ ଜବତ କରାଯାଇଥିଲା। ତାଙ୍କର ଭୁବନେଶ୍ବର ବଡ଼ଗଡ଼ରେ ଏକ ଦୁଇତାଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍, କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ ବିଲ୍ଡିଂ ରହିଛି। ଏହା ସହିତ ବାଲେଶ୍ବରରେ ୩ଟି ପ୍ଲଟ୍ ମଧ୍ୟ ଅଛି। ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ୨୦ ହଜାର ଟଙ୍କା ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡ଼ିଥିଲେ। ଦୁର୍ନୀତି ନିବାରଣ ବିଭାଗର ଅନୁସନ୍ଧାନରୁ ଜଣାଯାଇଛି ଯେ ତାଙ୍କର ଭୁବନେଶ୍ବରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ପ୍ଲଟ ଓ ଜଗତସିଂହପୁରରେ ଦୁଇଟି ପ୍ଲଟ ରହିଛି। ତା’ ସହିତ ଜଗତସିଂପୁରରେ ଗୋଟିଏ ଦୁଇ ତାଲା ବିଲ୍ଡିଂ ଅଛି। ଏହା ସହିତ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି। ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡ଼ିଥିଲେ। ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା। ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଅନୁଗୁଳ ପୁଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେହିପରି କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡ଼ିଥିଲେ। ଅସାଧୁ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ମୋ ସରକାର ତଥା ଅନ୍ୟ ସୂତ୍ରରୁ ମିଳିଥିବା ମତାମତକୁ ମଧ୍ୟ ବିଚାରକୁ ନିଆଯାଇ କାର୍ଯାନୁଷ୍ଠାନ ଗ୍ରହଣ କରାଯାଇଛି। ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ନିକଟରେ ଜଣେ ବରିଷ୍ଠ ଭାରତୀୟ ବନସେବା ଅଧିକାରୀ ଓ ଜଣେ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।