ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କ୍ଷୟକ୍ଷତି ପରିମାଣ ୬୧୦ କୋଟି ଟଙ୍କା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନଫରେନ୍ସି ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରିଛନ୍ତି । ଏଥିସହିତ ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି ଡକୁମେଣ୍ଟେସନ୍‌ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି ।

ଆଜିର ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଓ ଜିଲ୍ଲା ପ୍ରଶାସନ ବାତ୍ୟା ସମୟରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଲୋକଙ୍କ ଜୀବନ ସୁରକ୍ଷା କରିଛନ୍ତି । ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ୍‌ ସମୟ ମଧ୍ୟରେ କରାଯାଇପାରିଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ସମସ୍ତ କାର୍ଯ୍ୟର ଡକୁମେଣ୍ଟେସନ କରିବାର ଆବଶ୍ୟକତା ସଂପର୍କରେ କହିଥିଲେ । ବାତ୍ୟାର ଲ୍ୟାଣ୍ଡ ଫଲ୍‌ର ପୂର୍ବବର୍ତ୍ତୀ ସମୟର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ଡକୁମେଣ୍ଟେସନ କରାଗଲେ, ଏହା ଆଗାମୀ ଦିନରେ ଆମକୁ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟାରେ ସମୁଦାୟ ୧୫୦ଟି ଗାଁରେ ଜଳମଗ୍ନ ହୋଇଥିଲା । ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି ବୋଲି ସେ କହିଥିଲେ । ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ଟି ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ଆଦି ନିୟୋଜିତ କରାଯାଇଥିଲା ।

ସେହିପରି ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସଂପର୍କରେ ସୂଚନା ଦେଇ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଶାସନ ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ  କାମ କରିଥିଲା ଏବଂ ଏଥିରେ ପ୍ରାୟତଃ ସଫଳ ହୋଇଛି । ସେ କହିଥିଲେ ଯେ ଏଥିରେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ । ବାତ୍ୟାରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଓ  ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସଂପତ୍ତି କ୍ଷତି ହୋଇଛି । ସମୁଦାୟ କ୍ଷତିର ପରିମାଣ ୬୧୦ କୋଟି ଟଙ୍କା । ଏବଂ ରିଲିଫ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ସେ କହିଥିଲେ।

କୃଷି ବିଭାଗର କ୍ଷୟକ୍ଷତି ସଂପର୍କରେ ଆଲୋକପାତ କରି ସ୍ବତନ୍ତ୍ର ରିଲିଫ କମିଶନର କହିଥିଲେ ଯେ ସମୁଦ୍ରକୂଳ ପ୍ରଭାବିତ ଜିଲ୍ଲା ଗୁଡିକରେ ଲୁଣି ପାଣି ମାଡି ଯିବାରୁ ଆଗାମୀ ଖରିଫ ଫସଲ ପାଇଁ ସମସ୍ୟା ଦେଖାଦେଇଛି । ତେଣୁ ଓଡିଶା କୃଷି ଓ ବୈଷୟିକ ବିଦ୍ୟାଳୟ ଓ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ମାନଙ୍କୁ ଏହାର ପ୍ରଭାବ ସଂପର୍କରେ ଅନୁଧ୍ୟାନ କରି ପରାମର୍ଶ ପ୍ରଦାନ କରିବା ପାଇଁ କୁହାଯାଇଛି । ଏହି ବୈଜ୍ଞନିକ ମାନେ ବର୍ତ୍ତମାନ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି ଏବଂ ଖୁବଶୀଘ୍ର ରିପୋର୍ଟ ଆସିବ ବୋଲି ସେ କହିଥିଲେ।

ବିଭାଗୀୟ ସଚିବ ମାନେ ସେମାନଙ୍କ ବିଭାଗର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ।  ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ, ଏଥିରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ ଏବଂ ଏଥିରେ ୯୯.୮ ପ୍ରତିଶତ ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି ।  ୨୩୦ଟି ଟ୍ରାନ୍ସଫର୍ମର ଆଜି ସୁଦ୍ଧା ବଦଳାଯାଇ ନୂଆ ଟ୍ରାନ୍ସଫର୍ମର ଲଗାଯିବ ବୋଲି ସୂଚନା ଦିଆଯାଇଥିଲା ।  ଶକ୍ତି ବିଭାଗର କ୍ଷୟକ୍ଷତିର ପରିମାଣ ୧୫୦ କୋଟି ଟଙ୍କା ବୋଲି ଦର୍ଶାଯାଇଥିଲା।

ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ବାତ୍ୟା ସମୟରେ ଓ ପରେ ପାନୀୟ ଜଳ ଯୋଗାଣ ଅବିରତ ଭାବେ ଜାରି ରହିଥିଲା । ବାତ୍ୟା  ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ମୂତୟନ କରାଯାଇଥିଲା। ଏହା ସାରା ଭାରତରେ ଏକ ଅନନ୍ୟ ପଦକ୍ଷେପ ବୋଲି ସୂଚନା ଦିଆଯାଇଥିଲା । ମଇ ୩୧ ସୁଦ୍ଧା ସମସ୍ତ ଟ୍ୟୁବୱେଲ ଓ ପାଇପ ୱାଟର ପ୍ରକଳ୍ପର ଜଳ ଉତ୍ସ୍ୟକୁ ବିଶୋଧନ କରାଯାଇଥିଲା।  ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର, ପଞ୍ଚାୟତ ରୋଡର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ୮ଟି ସହରାଞ୍ଚଳର ୫୮ଟି ସଡକ ସହିତ ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ ଆଦି କ୍ଷତିର ସମ୍ମୁଖୀନ ହୋଇଛି। ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା ବୋଲି   ସୂଚନା ଦିଆଯାଇଥିଲା। ସେହିପରି ଜଳସଂପଦ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଓ ରାସ୍ତାରେ ହୋଇଥିବା ଘାଇ ସଂପର୍କରେ ସୂଚନା ଦିଆଯାଇଥିଲା। ସମୁଦାୟ କ୍ଷତିର ପରିମାଣ ୧୦୮ କୋଟି ଟଙ୍କା । ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସଡକ ଗୁଡିକୁ ଗଛ କାଟି ତୁରନ୍ତ ଅବରୋଧମୁକ୍ତ କରାଯାଇଥିଲା। ୨୪୬ଟି କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଛି । କ୍ଷତିର ପରିମାଣ ୭୫ କୋଟି ଟଙ୍କା। ଗ୍ରାମ୍ୟ ଉନ୍ନୟନ ବିଭାଗ କ୍ଷତିର ପରିମାଣ ୬୦ କୋଟି ଟଙ୍କା ବୋଲି ଦର୍ଶାଯାଇଛି ।

ଏହି ବୈଠକରେ ବାଲେଶ୍ବର, ଭଦ୍ରକ, ମୟୁରଭଂଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଆବଶ୍ୟକତା ସଂପର୍କରେ ଦୃଷ୍ଟି ଆକର୍ଣଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।

ସମ୍ବନ୍ଧିତ ଖବର