ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକ

ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକ

କଟକ: ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କର ଆଜି ଅପରାହ୍ନରେ ପରଲୋକ ହୋଇଯାଇଛି। କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଂଜ‌ ମେଡିକାଲ କଲେଜ ଏବଂ ହସ୍‌ପିଟାଲ (ଏସ୍‌ସିବି)ରେ ଶ୍ରୀ ରାଓଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ଅସୁସ୍ଥତା କାରଣରୁ କିଛି ଦିନ ପୂର୍ବରୁ ତାଙ୍କୁ ଏସ୍‌ସିବିରେ ଭର୍ତ୍ତି କରାଯାଇଥିଲା। ବ୍ରେନ୍‌ ଷ୍ଟୋକ୍‌ ଯୋଗୁଁ ପଦ୍ମଶ୍ରୀ ରାଓଙ୍କର ବିୟୋଗ ହୋଇଥିବା ନେଇ ତାଙ୍କର ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀ ରାଓଙ୍କ ଦେହାନ୍ତ ଖବର ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳାଇ ଦେଇଛି।

ସ୍ୱତନ୍ତ୍ର ଢଙ୍ଗରେ ଚା’ ବିକ୍ରି କରି ଚର୍ଚ୍ଚାରେ ରହିଥିବା କଟକ ସହରର ବିଶିଷ୍ଟ ସମାଜସେବୀ ଡି. ପ୍ରକାଶ ରାଓ ୨୧୮ ଥର ରକ୍ତଦାନ କରି ଏକ ବିରଳ ରେକର୍ଡର ଅଧିକାରୀ ଥିଲେ । ବକ୍ସିବଜାର ପେନସନ ଲେନର ଡି. କ୍ରିଷ୍ଣମୂର୍ତ୍ତି ଏବଂ ଡି. ଲକ୍ଷ୍ମୀଙ୍କ ୩ ଜଣ ସନ୍ତାନଙ୍କ ମଧ୍ୟରେ ଡି. ପ୍ରକାଶ ରାଓ ଥିଲେ ବଡ । ବକ୍ସି ବଜାରରେ ଥିବା ତାଙ୍କ ଚା’ ଦୋକାନରେ ଗ୍ରାହକଙ୍କୁ ଉତ୍ତମ ବ୍ୟବହାର ଏବଂ ଖବର କାଗଜ, ମାଗାଜିନ ପଢିବାର ସୁଯୋଗ ଦେଇ ସେ ଚର୍ଚ୍ଚାକୁ ଆସିଥିଲେ। ୧୯ ବର୍ଷ ପୂର୍ବେ ସେ ‘ଆଶା ଓ ଆଶ୍ୱାସନା’ ନାମରେ ଏକ ସ୍କୁଲ ଗଢ଼ି ବସ୍ତି ପିଲାଙ୍କୁ ମାଗଣା ପଢିବାର ସୁଯୋଗ ଦେଇଥିଲେ। ନିୟମିତ ରକ୍ତଦାନ କରି ଏଯାଏଁ ୨୧୮ ଥର ରକ୍ତଦାନ ଏବଂ ୧୭ ଥର ପ୍ଲେଟଲେଟ୍ସ ଦାନ କରିଥିଲେ ଶ୍ରୀ ରାଓ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୮, ମେ’ ୨୬ରେ କଟକ ଆସିଥିବା ସମୟରେ ଶ୍ରୀ ରାଓଙ୍କୁ ସ୍ୱତନ୍ତ୍ର ଭାବେ ସାକ୍ଷାତ ଦେଇ ତାଙ୍କ ସହ ଆଲୋଚନା କରିଥିଲେ । ପୂର୍ବରୁ ଶ୍ରୀ ରାଓ ଇଣ୍ଟରନ୍ୟାସନାଲ ହ୍ୟୁମାନ ରାଇଟସ ଆୱାର୍ଡ, ଆନିବେଶାନ୍ତ ସମ୍ମାନ, ଭାରତ ବିକାଶ ସମ୍ମାନ ଭଳି ବହୁ ସମ୍ମାନ ପାଇଥିଲେ । ୨୦୧୯ରେ ଡି.ପ୍ରକାଶ ରାଓ ପଦ୍ମଶ୍ରୀ ଉପାଧିରେ ସମ୍ମାନିତ ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe