ଦୁଗ୍ଧ ଚାଷୀଙ୍କୁ ମିଳିଲା ସ୍ବତନ୍ତ୍ର କୋଭିଡ ସହାୟତା: ଲକ୍ଷେ ଦୁଗ୍ଧ ଚାଷୀଙ୍କୁ ୧୧ କୋଟି ଟଙ୍କା

ରାଜ୍ୟ ସରକାର ଗରିବ ଲୋକଙ୍କ ସାଥୀରେ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟର ଦୁଗ୍ଧ ଚାଷୀମାନଙ୍କୁ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରାଯାଇଛି। ଏହାଦ୍ବାରା ଏକ ଲକ୍ଷ ଦୁଗ୍ଧ ଚାଷୀ ୬ ହଜାର ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି। ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ସହାୟତା ପ୍ରଦାନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥୀରେ ଅଛନ୍ତି ଓ ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିସନ ଶକ୍ତିର ମା’ – ସମସ୍ତଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି।

ଛୋଟ ଚାଷୀଙ୍କ ରୋଜଗାରରେ ଗୋପାଳନର ଅବଦାନ ବିଷୟ ଆଲୋକପାତ କରି ଶ୍ରୀ ପଟ୍ଟନାୟକ କହିଲେ ଯେ ଏହା ସେମାନଙ୍କ ରୋଜଗାର ବଢ଼ାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ। ମା’ମାନଙ୍କ ରୋଜଗାର ବଢ଼ାଇବା ସହିତ ସାଧାରଣ ଲୋକଙ୍କର ବିଶେଷ କରି ପିଲାମାନଙ୍କ ପୁଷ୍ଟି ସାଧନରେ ଦୁଗ୍ଧର ବହୁତ ବଡ଼ ଭୂମିକା ରହିଛି। ତେଣୁ ଦୁଗ୍ଧ ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରରେ ଆହୁରି ଉନ୍ନତି ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଦୁଗ୍ଧ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରି ରିହାତି ଯୋଗାଇ ଦେଉଛନ୍ତି। ଚାଷୀମାନେ ଏହି ଯୋଜନାର ଉପଯୋଗ କରି ରାଜ୍ୟର ଦୁଗ୍ଧ ଉତ୍ପାଦନ ଲକ୍ଷ୍ୟ ପୂରଣରେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଥିଲେ।

କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ରାଜ୍ୟ କୃଷି, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଅରୁଣ ସାହୁ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ୫-ଟି ଓ ମୋ ସରକାର ରାଜ୍ୟ ପ୍ରଶାସନର ମୂଳମନ୍ତ୍ର ବୋଲି ପ୍ରକାଶ କରି ସେ କହିଲେ ଯେ ଏହାର ପ୍ରୟୋଗ ଦ୍ବାରା ରାଜ୍ୟ ପ୍ରାଣୀ ସମ୍ପଦ କ୍ଷେତ୍ରରେ ପରିବର୍ତ୍ତନର ଧାରା ଆସିପାରିଛି। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟରେ ଚାଷୀ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ ବରଗଡ଼, ନବରଙ୍ଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ବତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। ବରଗଡ଼ରୁ ସତ୍ୟବତୀ ସାହୁ, ନବରଙ୍ଗପୁରରୁ ଖୋକନ ବିଶ୍ବାସ ଓ କଟକରୁ ବିଜୟଲକ୍ଷ୍ମୀ ସ୍ବାଇଁ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରାଜ୍ୟ ସରକାର ସେମାନଙ୍କ ଦୁଗ୍ଧ ଚାଷ ପାଇଁ ଅନେକ ପ୍ରକାର ସହାୟତା ଦେଉଛନ୍ତି । ଗୋଖାଦ୍ୟ, ଔଷଧ, କ୍ୟାଲସିଅମ, ମିନେରାଲ ମିକ୍ସଚର ଆଦି ଅନେକ ସହାୟତା ମିଳୁଛି। ଦୁଗ୍ଧ ଚାଷ ଦ୍ବାରା ସେମାନଙ୍କ ଆର୍ଥିକ ଉନ୍ନତି ହେବା ସହିତ ସେମାନେ ପିଲାମାନଙ୍କୁ ଉଚ୍ଚ ଶିକ୍ଷା ଦେଇପାରିଛନ୍ତି ଏବଂ ଘର ଖଣ୍ଡେ ଖଣ୍ଡେ କରିପାରିଛନ୍ତି ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ସଚିବ କେ. ରଘୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିସନର ଆର୍.କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ ଓମ୍‌ଫେଡ୍‌ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି।

ସମ୍ବନ୍ଧିତ ଖବର