ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବା ସହିତ ଅଳ୍ପ କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏଯାବତ ରାଜ୍ୟର ଭବାନୀପାଟଣା ଓ ମାଲକାନଗିରିରେ ସର୍ବାଧିକ ତାପାମାତ୍ରା ୩୨.୫ଡିଗ୍ରି ସେଲସିୟସ ରହିଛି। ସେହିପରି ବାରିପଦାରେ ସର୍ବନିମ୍ନ ୧୨.୫ଡିଗ୍ରି ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡି ପଡ଼ିବାର ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ରହିଛି।
ସେହିପରି ଆସନ୍ତା ଜାନୁଆରି ୨୯ରୁ ୩୦ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଥିସହିତ ଅନ୍ୟ ସବୁ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ଘନ କୁହୁଡି ପଡ଼ିବା ସମୟରେ ଗାଡ଼ି ଚଳାଚଳ ନେଇ ସତର୍କତା ଅବଲମ୍ବନ କରିବାକୁ ଜିଲ୍ଲାର ବାସିନ୍ଦାଙ୍କୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଇ ଦିଆଯାଇଛି।