ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଏକ୍ସ’ରେ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ଠିକ୍ ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ ଲେଖିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।

ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଶୁକ୍ରବାର ସକାଳେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର