ଭୁବନେଶ୍ୱର: ଆଜି (ମଙ୍ଗଳବାର) ଠାରୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଉପକୂଳ, ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ସୀମାନ୍ତବର୍ତ୍ତୀ ଜିଲ୍ଲାର କିଛି ସ୍ଥାନକୁ ଛାଡ଼ି ଦେଲେ ରାଜ୍ୟରେ ବର୍ଷା ସମ୍ଭାବନା କ୍ଷୀଣ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଗତକାଲି (ସୋମବାର) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ ବଳୟ ଏବେ ବି ଉକ୍ତ ଅଞ୍ଚଳରେ ରହିଛି। କିନ୍ତୁ ଏହାର ବିଶେଷ ପ୍ରଭାବ ଓଡ଼ିଶା ଉପରେ ନାହିଁ। ଏଥିଯୋଗୁଁ ଦକ୍ଷିଣ ସୀମାନ୍ତବର୍ତ୍ତୀ କିଛି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Advertisment

publive-image MetWeather

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ରାଜ୍ୟର ବାକି ସ୍ଥାନରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରରେ ସ୍ୱଳ୍ପ ବର୍ଷା ହୋଇପାରେ। କିନ୍ତୁ ମୌସୁମୀ ଟ୍ରଫ୍‌ ଲାଇନ୍‌ ଏବେ ବିକାନେର୍‌, ଜୟପୁର, ସାଗର, ଦୁର୍ଗ ହୋଇ ଦକ୍ଷିଣରୁ ଦକ୍ଷିଣ ଆଡ଼କୁ ଗତି କରି ସ୍ପଷ୍ଟ ଚିହ୍ନିତ ଲଘୁଚାପ ବଳୟର କେନ୍ଦ୍ର ଦେଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ରହିଛି। ଫଳରେ ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ଏଣୁ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଯାହା ବି ବର୍ଷା ହେବ, ତାହାର ପରିମାଣ ସ୍ୱାଭାବିକଠାରୁ କମ୍‌ ରହିବ। ପାଗ ପ୍ରାୟତଃ ଶୁଖିଲା ଓ ଖରାଟିଆ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ- ଭୁବନେଶ୍ୱର ଦେ୍ଵତନଗରୀର ପାଗ ଆଂଶିକ ମେଘାଚ୍ଛନ୍ନ ରହିବ। କାଁ ଭାଁ ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ।
ତେବେ ୧୯ ଓ ୨୦ ତାରିଖରେ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ
ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ ଜିଲ୍ଲାରେ ବର୍ଷା ସହ ବଗ୍ରପାତର ସମ୍ଭାବନା ରହିଛି।