ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ: ମୁଖ୍ୟମନ୍ତ୍ରୀ

Advertisment

୫-ଟି ସ୍କୁଲ ରୂପାନ୍ତରଣର ୨ୟ ପର୍ଯ୍ୟାୟରେ ୨୯୦୮ଟି ସ୍କୁଲ ରୂପାନ୍ତରିତ, ୫ଟି ଜିଲ୍ଲାର ୫୩୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

୫-ଟି ସ୍କୁଲ ରୂପାନ୍ତରଣର ୨ୟ ପର୍ଯ୍ୟାୟରେ ୨୯୦୮ଟି ସ୍କୁଲ ରୂପାନ୍ତରିତ, ୫ଟି ଜିଲ୍ଲାର ୫୩୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

୨୦୩୬ ସୁଦ୍ଧା ସଶକ୍ତ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଜି ରାଜ୍ୟର ୫ଟି ଜିଲ୍ଲା- ଖୋର୍ଦ୍ଧା, ବୌଦ, ମାଲକାନଗିରି, ସୋନପୁର ଓ ମୟୁରଭଂଜର ରେକର୍ଡ ୫୩୨ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି।

ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଦନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି ।

publive-image

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ। ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।

publive-image

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି ଅବସରରେ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମରେ ଉପସ୍ଥିତ ମନ୍ତ୍ରୀ ସୁଦାମ ମାର୍ଣ୍ଣି, ମନ୍ତ୍ରୀ ପଦ୍ମନାଭ ବେହେରା, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସାଂସଦ ରମେଶ ମାଝୀ ଓ ବିଧାୟକ ପ୍ରଦୀପ ଅମାତ ପ୍ରମୁଖ ଉଦବୋଧନ ଦେଇ ୫-ଟି ସ୍କୁଲ ରୂପାନ୍ତରଣର ପିଲାଙ୍କ ଭିତରେ କିପରି ଉତ୍ସାହ ସୃଷ୍ଟି କରିଛି ତା ଉପରେ ଆଲୋକପାତ କରିଥିଲେ।

ମୟୂରଭଞ୍ଜରୁ ପୂର୍ଣିମା, ସୋନପୁରରୁ ମୌସୁମୀ, ବୌଦ୍ଧରୁ ରାଜଶ୍ରୀ, ମାଲକାନଗିରିରୁ ହିତାକାଂକ୍ଷୀ ଓ ଖୋର୍ଦ୍ଧାରୁ ପର୍ଶୁରାମ ଆଦି ଛାତ୍ର-ଛାତ୍ରୀମାନେ ସେମାନଙ୍କ ବକ୍ତବ୍ୟରେ
ସ୍କୁଲ ରୂପାନ୍ତରଣର କିପରି ସେମାନଙ୍କ ମନରେ ଆଶା ଓ ବିଶ୍ୱାସ ଭରି ଦେଇଛି ତାହା ବର୍ଣନା କରିବା ସହିତ ସେମାନଙ୍କ ସ୍କୁଲ ଏବେ ଭୁବନେଶ୍ୱରର ସ୍କୁଲମାନଙ୍କ ଠାରୁ କିଛି କମ ନୁହେଁ ବୋଲି ଆନନ୍ଦ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe