ଚାଷୀଙ୍କ ଆୟ ୩ଗୁଣା କରିବା ଉପରେ ଗୁରୁତ୍ବ

ଭୁବନେଶ୍ବର : ରାଜ୍ୟ ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗରେ ଆଜି ୮୦୪ଜଣ କର୍ମଚାରୀ ନିଯୁକ୍ତ ହୋଇଛନ୍ତି। ଏଥିରେ ୧୪୬ ପ୍ରାଣୀ ଚିକିତ୍ସକ, ୫୮୮ ପ୍ରାଣୀଧନ ନିରୀକ୍ଷକ, ୬୭ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ ୩ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ‌ଏଥିପାଇଁ ଲୋକସେବା ଭବନ ସମ୍ମିଳନୀ କକ୍ଷ ଓ ଜୟଦେବ ଭବନରେ ଏକସଙ୍ଗେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସମସ୍ତ ଜିଲ୍ଲାର ବିଭାଗୀୟ ଅଧିକାରୀମାନେ ଆଭାସୀ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ନବନିଯୁକ୍ତ କର୍ମଚାରୀଙ୍କ ପାଇଁ ଆୟୋଜିତ ଦିଗଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ।

ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗରେ ନିଯୁକ୍ତ ହେଲେ ୮୦୪ କର୍ମଚାରୀ
୧୪୬ ପ୍ରାଣୀ ଚିକିତ୍ସକ, ୫୮୮ ପ୍ରାଣୀଧନ ନିରୀକ୍ଷକ, ୬୭ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ ୩ କନିଷ୍ଠ ଯନ୍ତ୍ରୀ

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ ଓ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକ ପ୍ରାଣୀ ପାଳନ ଓ ମତ୍ସ୍ୟ ଉତ୍ପାଦନ ମାଧ୍ୟମରେ ନିଜର ଆୟ ବୃଦ୍ଧି କରିପାରୁଛନ୍ତି। ସେଥିପାଇଁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରକୁ କୃଷକ, ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଓ ଉଦ୍ୟୋଗୀମାନଙ୍କ ପାଇଁ ଅଭିବୃଦ୍ଧିର ଏକ ଇଞ୍ଜିନ ଭାବରେ ଚିହ୍ନଟ କରାଯାଇଛି। ଗ୍ରାମାଞ୍ଚଳରେ ଲୋକଙ୍କ ପ୍ରୋଟିନ କ୍ୟାଲୋରିର ଆବଶ୍ୟକତା ପୂରଣ କରିବା, ପୁଷ୍ଟିସାଧନ ଓ ସର୍ବୋପରି ଖାଦ୍ୟ ସୁରକ୍ଷା ପାଇଁ ମତ୍ସ୍ୟ ଓ ପ୍ରାଣୀସଂପଦ କ୍ଷେତ୍ରର ସ୍ବତନ୍ତ୍ର ଭୂମିକା ରହିଛି। ୫-ଟି ଉପକ୍ରମ ଉପରେ ଗୁରୁତ୍ୱାରୋପ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମ୍ପୂର୍ଣ୍ଣ ସ୍ୱଚ୍ଛତା ବଜାୟ ରଖିବା, ଏକ ଟିମ୍‌ଭାବେ କାମ କରିବା ଓ ବୈଷୟିକ ଜ୍ଞାନର ପ୍ରୟୋଗ ଦ୍ବାରା ତୃଣମୂଳ ସ୍ତରରେ ପ୍ରକୃତ ପରିବର୍ତ୍ତନକୁ ସୁନିଶ୍ଚିତ କରିହେବ। ନବନିଯୁକ୍ତ କର୍ମଚାରୀମାନେ ସ୍ୱଚ୍ଛତା ବଜାୟ ରଖିବା ସହ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିବାକୁ ସେ ଆହ୍ବାନ କରିଥିଲେ।

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଆଜି ରାଜ୍ୟରେ ପ୍ରାଣୀଜ ଉତ୍ପାଦନ ବୃଦ୍ଧି ପାଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ, ରାଜ୍ୟରେ ନିଯୁକ୍ତି କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଥିଲେ,ମୁଖ୍ୟମନ୍ତ୍ରୀ ପ୍ରାଣୀ ଚିକିତ୍ସକ ପଦବିକୁ ଗ୍ରୁପ-ବି ରୁ ଗ୍ରୁପ-ଏ କରିଛନ୍ତି। ଚାଷୀମାନଙ୍କ ରୋଜଗାର ୩ ଗୁଣ କରିବା ପାଇଁ ବିଭାଗର ସମସ୍ତ କର୍ମଚାରୀ ୫-ଟି ଉପକ୍ରମ ଅନୁସରଣ କରି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ କୃଷି ଉତ୍ପାଦନ କମିସନର ସଂଜୀବ ଚୋପ୍ରା ଉପସ୍ଥିତ ଥିଲେ। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ଶାସନ ସଚିବ ଏସ.କେ ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିବା ବେଳେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧିତ ଖବର