ଭୁବନେଶ୍ବର: ଭୁବନେଶ୍ବର ୟୁନିଟ୍‌-୨ସ୍ଥିତ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୧ତମ ପାଳି। ହଜାରେ ଅଭିଯୋଗକାରୀ ଅନ୍‍ଲାଇନ୍‌ରେ ନାମ ପଞ୍ଜୀକୃତ କରିଥିଲେ। ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ୬ ଜଣ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅସାଧ୍ୟ ଓ ଦୁରାରୋଗ୍ୟ ପୀଡ଼ିତ ବ୍ୟକ୍ତିଙ୍କୁ ସିଙ୍ଗିଲ୍‌ ୱିଣ୍ଡୋ ବ୍ୟବସ୍ଥାରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୪ଜଣଙ୍କୁ ସାଢ଼େ ୧୩ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। 

Advertisment

ମୁଖ୍ୟମନ୍ତ୍ରୀ ପ୍ରଥମେ ସକାଳେ ବାହାରେ ଅପେକ୍ଷା କରିଥିବା ଭିନ୍ନକ୍ଷମ ଓ ଦୁରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସିଙ୍ଗିଲ୍‌ ୱିଣ୍ଡୋ ବ୍ୟବସ୍ଥାରେ ଚିକିତ୍ସା ଖର୍ଚ୍ଚ ପାଇଁ ନୟାଗଡ଼ର ସନ୍ତୋଷ ବିଶ୍ୱାଳଙ୍କୁ ୫୦ ହଜାର ଟଙ୍କା, ଯାଜପୁରର ବିଷ୍ଣୁଚରଣ ସାହୁ, ଭଦ୍ରକର ଲକ୍ଷ୍ମୀଧର ସେଠୀ ଓ ବୁଦ୍ଧିଆ ମଣ୍ଡଳ, ବୌଦ୍ଧର ନୀଳକଣ୍ଠ ପ୍ରଧାନ ଓ ଯଦୁମଣି କର୍ମୀ, ଗଞ୍ଜାମର ଛାୟା ନାୟକ, ନବରଙ୍ଗପୁରର କମଳା ନାୟକ, ଖୋର୍ଦ୍ଧାର କୈଳାସ ପଲେଇ, ମୟୂରଭଞ୍ଜର ସୁନିତା ଚୌଧୁରୀ ଓ କଟକର ସାତ୍ତ୍ୱିକ କରଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ଦିଆଯାଇଥିଲା। କେନ୍ଦୁଝରର ନବୀନ କୁମାର ସେଠୀଙ୍କୁ ୨ ଲକ୍ଷ, କଟକର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ୫୦ ହଜାର, କଟକର ସୁରେଶ କୁମାର ଜେନାଙ୍କୁ ଅନୁକମ୍ପାମୂଳକ ସହାୟତା ବାବଦକୁ ୫୦ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ। 

ମୁଖ୍ୟମନ୍ତ୍ରୀ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଉପରେ ଲୋକଙ୍କ ଆସ୍ଥା ବଢ଼ିଛି। ଲୋକଙ୍କୁ ନିରନ୍ତର ନ୍ୟାୟ ପ୍ରଦାନ କରିବା ପାଇଁ ଏହି କାର୍ଯ୍ୟକ୍ରମ ଜାରି ରହିଛି। ସରକାର ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଓ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହା ମାଧ୍ୟମରେ ଗରିବ ଓ ଅସହାୟଙ୍କୁ ସହାୟତା ପ୍ରଦାନ କରାଯାଉଛି। ଆଗାମୀ ଦିନରେ ଆଞ୍ଚଳିକସ୍ତରରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଅପରପକ୍ଷରେ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୦ଟି ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୦,୨୩୪ଟି ଅଭିଯୋଗ ଭିତରୁ ୮୫% ବା ୮,୭୧୩ଟି ଅଭିଯୋଗର ସମାଧାନ କରାଯାଇଛି। ବକେୟା ଅଭିଯୋଗଗୁଡ଼ିକୁ ସମାଧାନ କରିବା ଲାଗି ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଥିବା ସରକାର କହିଛନ୍ତି। ଜନଶୁଣାଣି କାର୍ଯ୍ୟକ୍ରମରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ଓ ଅନ୍ୟ ବିଭାଗର ସଚିବସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି କାର୍ଯ୍ୟ ପରିଚାଳନା କରିଥିଲେ।