Representation image
ଭୁବନେଶ୍ବର : ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଆସନ୍ତା ୩ ଦିନ ଧରି ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ଖୁବ୍ ଅଧିକ ରହିବ। ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୧୫ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାସହ ସତର୍କ ରହିବାକୁ ତଥା ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ବତନ୍ତ୍ର ରିଲିଫ କମିସନର୍ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି।
କେନ୍ଦ୍ରର ସୂଚନା ମୁତାବକ, ୯ ତାରିଖ ଦିନ ୧୭ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହ କନ୍ଧମାଳ, ବୌଦ୍ଧ, ସୋନପୁର ଓ ଅନୁଗୁଳ ଆଦି ଜିଲ୍ଲାରେ କୁଆପଥର ବର୍ଷା ହେବ। ଏଣୁ ଏହି ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ୧୦ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାରେ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରି ପାଖାପାଖି ରହିବ। ଅପରାହ୍ଣରେ ଆକାଶ ମେଘାଚ୍ଛନ୍ନ ରହିବ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
Follow Us