ଆଜିଠୁ ବଲାଙ୍ଗୀର, ସୋନପୁରରେ ବଢ଼ିବ ତାତି, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆକଳନର ଦୁଇ ଦିନ ପୂର୍ବରୁ ଅର୍ଥାତ୍‌ ମାର୍ଚ୍ଚ ୩୦ରୁ ସାରା ରାଜ୍ୟରେ ତାତି ବଢ଼ିବ। ବିଶେଷକରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ। ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୩୦ ତାରିଖ ପାଇଁ ବଲାଙ୍ଗୀର ଓ ସୋନପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ୩ଦିନ ୬ଟି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାକୁ ଥିବାରୁ ସ୍ଥିତି ଉପରେ ନଜର ରଖିବା ପାଇଁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

ପୂର୍ବାନୁମାନ ଅନୁଯାୟୀ, ମଙ୍ଗଳବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଲାଗି ରହିବ। ପୂର୍ବାହ୍ନ ସୁଦ୍ଧା ମୟୂରଭଞ୍ଜ, ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତାହାକୁ ନଜରରେ ରଖି ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏପ୍ରିଲ ପହିଲା ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ଆଶଙ୍କା ଥିବାରୁ ମସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ମାର୍ଚ୍ଚ ୩୧ରୁ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ। କେତେକ ସ୍ଥାନରେ ୩ରୁ ୫ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପାରଦ ୪୨ ଛୁଇଁବାର ସମ୍ଭାବନା ରହିଥିବାରୁ ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ହିଟ୍‌ୱେଭ୍‌ ଜାରି କରାଯାଇଛି। ପୂର୍ବାହ୍ନ ୧୧ଟାରୁ ଅପରାହ୍‌ଣ ୩ଟା ପର୍ଯ୍ୟନ୍ତ ଉକ୍ତ ଜିଲ୍ଲାର ଲୋକେ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ୩ ତାରିଖ ବେଳକୁ କୋରାପୁଟ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ। ତାହାକୁ ନଜରରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ଜିଲ୍ଲାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧.୬ ଡିଗ୍ରି ରେକର୍ଡ କରାଯାଇଛି। ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି।

ସମ୍ବନ୍ଧିତ ଖବର