India Today
ଭୁବନେଶ୍ବର : ରାଜ୍ୟରେ ଏବେ ଗରମ, ଗୁଳୁଗୁଳି ଜାରି ରହିଛି। ରାଜ୍ୟର ୧୨ଟି ସହରର ତାପମାତ୍ରା ଆଜି ୪୦ ଡିଗ୍ରି ଅତିକ୍ରମ କରିଥିବା ବେଳେ ବଲାଙ୍ଗୀରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇଛି। ଏଠାରେ ଦିନ ତାପମାତ୍ରା ୪୨.୨ ଡିଗ୍ରି ରେକର୍ଡ ହୋଇଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଆଜି ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହୋଇଥିବା ବେଳେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତା ପର୍ଯ୍ୟନ୍ତ ପରିବ୍ୟାପ୍ତ। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି। ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏଥିସହ ୩୦ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଗଜପତି, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ତେବେ କାଳବୈଶାଖୀ ବିଶେଷ ପ୍ରଭାବ ପକାଇବ ନାହିଁ। ରାଜ୍ୟରେ ବିଶେଷ କରି ଉପକୂଳରେ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ଆସନ୍ତାକାଲି ଭୁବନେଶ୍ବର ଓ ସଂଲଗ୍ନ ଅଞ୍ଚଳଗୁଡ଼ିକର ସର୍ବୋଚ୍ଚ ତାପମାତ୍ରା ୩୮ ଡିଗ୍ରି ରହିବ।
ଆସନ୍ତା ୨/୩ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳ ଛୁଇଁବା ନେଇ ପାଗ ଅନୁକୂଳ ରହିଛି। ଏଥିସହ ଏହି ସମୟରେ ଆରବ ସାଗର ଓ ଲାକ୍ଷାଦ୍ବୀପର ଆଉ କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ ହେବ ବୋଲି ପାଣିପାଗ ବିଭାଗ କହିଛି।
Follow Us