ଗ୍ରୀଷ୍ମପ୍ରବାହ ପାଇଁ ୪ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶାରେ କେବେ ପହଞ୍ଚିବ ସେନେଇ କୌଣସି ପ୍ରକାରର ସ୍ପଷ୍ଟ ଚିତ୍ର ଏଯାବତ୍‌ ମିଳିପାରି ନାହିଁ। ଅନ୍ୟ ପକ୍ଷରେ ରାଜ୍ୟର କୌଣସି ବି ସ୍ଥାନରେ ଏଯାବତ୍‌ ପ୍ରାକ୍‌ ମୌସୁମୀ ବର୍ଷା ହୋଇନାହିଁ। ରାଜ୍ୟ ମଧ୍ୟକୁ ସଂପ୍ରତି ପ୍ରବାହିତ ହେଉଥିବା ଉତ୍ତପ୍ତ ଶୁଷ୍କ ବାୟୁ ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହେଉଥିବା ବେଳେ ଉଚ୍ଚ ଆଦ୍ରତା ପ୍ରଭାବରେ ଉପକୂଳରେ ଅସହ୍ୟ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଲାଣି।

ଏ ପରିସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୯ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ପଶ୍ଚିମ ଓଡ଼ିଶାର ୪ଟି ଜିଲ୍ଳାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିବାର ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ବୁଧବାର ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ ପ୍ରଭୃତି ୪ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଗ୍ରାଷ୍ମ ଲହରି ପ୍ରବାହିତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପ୍ରତି ବିଶେଷ ଦୃଷ୍ଟି ରଖିବା ସହ ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପଦାକୁ ଖରାରେ ନବାହାରିବାକୁ ପରାମର୍ଶ ଦିଆଯାଇଛି।

ତେବେ, ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ମାଲକାନାଗିରି, ରାୟଗଡ଼ା, ଗଜପତି, ଗଂଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ।

ଅନ୍ୟପକ୍ଷରେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧିତ ଖବର