ଆଉ ୨ଦିନ ଘନ କୁହୁଡ଼ି, ୨୯ରେ ସାମାନ୍ୟ ବର୍ଷା

ବଦଳିବ ପାଗ: କଲବଲ କରିବ କୁହୁଡ଼ି; ୩ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

The New Nation

ଭୁବନେଶ୍ବର : ରାଜ୍ୟରେ ଶୀତ କମିବା ଆରମ୍ଭ କରିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ତାପମାତ୍ରା ୨ରୁ ୩ ଦିନ ପର୍ଯ୍ୟନ୍ତ ବଢ଼ିଛି। ଫଳରେ ଅଧିକାଂଶ ଜିଲ୍ଲାର ସର୍ବନିମ୍ନ ରାତି ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିଛି। ଗତକାଲି ରାଜ୍ୟର ସର୍ବନିମ୍ନ ତାପମାତ୍ରା ଫୁଲବାଣୀଠାରେ ୧୧ ଡିଗ୍ରି ରେକର୍ଡ ହୋଇଛି। ସେହିଭଳି ଭୁବନେଶ୍ବରର ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରି ଛୁଇଁଛି। ଯାହାକି ସର୍ବନିମ୍ନ ସ୍ବାଭାବିକ ତାପମାତ୍ରାଠାରୁ ୩ ଡିଗ୍ରି ଅଧିକ। ଅନ୍ୟପଟେ ରାଜ୍ୟରେ ଏବେ କୁହୁଡ଼ି ପାଇଁ ଅନୁକୂଳ ବାତାବରଣ ରହିଛି। ଆଜି ସକାଳେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର ଓ ମାଲକାନଗିରିରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିଥିଲା। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟର ଅନେକ ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦ୍ରର ସୂଚନା ମୁତାବକ, ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ସ୍ଥାନରେ ପାଗ ଶୁଖିଲା ରହିଥିଲା। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟରେ ପା‌ଗ ଶୁଖିଲା ରହିବ। ୨୯ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ଓଡ଼ିଶାରେ ପାଗ ମେଘୁଆ ରହିବ। ଏଥିସହ କିଛି କିଛି ଅଞ୍ଚଳରେ ସାମାନ୍ୟ ବର୍ଷା ହୋଇପାରେ। ବିଶେଷ କରି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ କିଛି ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିବ। ଆସନ୍ତାକାଲି ସକାଳୁ ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଧା, କଟକ, ଜଗତସିଂହପୁର, ‌କେନ୍ଦ୍ରାପଡ଼ା, ଯାଜପୁର ଓ ଭଦ୍ରକ ଆଦି ଅଞ୍ଚଳରେ ଘନକୁହୁଡ଼ି ଦେଖିବାକୁ ମିଳିବ। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୨୭ ତାରିଖ ସକାଳୁ କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋ‌ର୍ଧା, କଟକ, ଅନୁଗୁଳ, ଢେଙ୍କାନାଳ ଓ ଜଗତସିଂହପୁର ଆଦି ଜିଲ୍ଲାରେ ଘନ କୁହୁଡ଼ିକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe