ଘଣ୍ଟାପ୍ରତି ୬୫ କିମି ବେଗରେ ପବନ ହୋଇପାରେ
ଉପକୂଳରେ ମାଟି ଘର ଭାଙ୍ଗିବ, ଛୋଟ ଗଛ ଉପୁଡ଼ିବ
୨୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଧରି ଉପକୂଳ ଓଡ଼ିଶାରେ ବର୍ଷା ଲାଗିରହିବ। ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି।
ଭାରତୀୟ ପାଣିପାଗ ବିଭାଗର ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ଅକ୍ଟୋବର ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ଅଧା ଓଡ଼ିଶାରେ ବର୍ଷା ହେବା ଦ୍ବାରା ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଏଥିସହ ପାହାଡ଼ ଧସିବା, ମାଟି ଘର ଓ ରାସ୍ତା ନଷ୍ଟ ହେବାର ସମ୍ଭାବନା ଥିବା ବେଳେ ସହରାଞ୍ଚଳରେ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହୋଇପାରେ। ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ବେଳେ ବେଳେ ପବନର ବେଗ ଘଣ୍ଟା ପ୍ରତି ୫୦ କିମି ବି ଛୁଇଁବାର ସମ୍ଭାବନା ରହିଛି। ତେବେ ୱେଲ୍ ମାର୍କଡ୍ ଲୋ ପ୍ରେସର୍ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ। ୨୪ ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗରରୁ ଓଡ଼ିଶା ଉପକୂଳ ପର୍ଯ୍ୟନ୍ତ ପବନର ବେଗ ଘଣ୍ଟା ପ୍ରତି ୬୫ କିମି ଛୁଇଁବାର ସମ୍ଭାବନା ରହିଛି। ତାହାକୁ ଦୃଷ୍ଟିରେ ରଖି ୨୪ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
ଶ୍ରୀ ମହାପାତ୍ର ଆହୁରି ସୂଚନା ଦେଇଛନ୍ତି ଯେ ୱେଲ୍ ମାର୍କ ଲୋ ପ୍ରେସରରେ ପରିଣତ ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେଇ ଉତ୍ତର ପଶ୍ଚିମ ଆଡ଼କୁ ଅଗ୍ରସର ହେବ। ପରବର୍ତୀ ସମୟରେ ଭୀଷଣ ଅବପାତ ରୂପ ନେଇ ଉତ୍ତର-ଉତ୍ତରପୂର୍ବ ଆଡ଼କୁ ବଢ଼ିବ। ଏହା ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ମୁହାଁ ହେବ। ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ, ବାଂଲାଦେଶରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ଏହି ଅବପାତର ପ୍ରଭାବ ରହିବ।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶକ ଏଚ୍ ଆର ବିଶ୍ବାସ କହିଛନ୍ତି ଯେ ୨୨ ତାରିଖ ପୂର୍ବାହ୍ନ ସୁଦ୍ଧା ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା(୧୧୫.୬ରୁ ୨୦୪.୪ ମିମି) ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ମାଲକାନଗିରି, କୋରାପୁଟ, ରାୟଗଡ଼ା, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରରେ ପ୍ରବଳ ବର୍ଷା(୫୪.୫ରୁ ୧୧୫.୫ ମିମି) ହେବ। ୨୨ ତାରିଖ ପୂର୍ବାହ୍ନରୁ ୨୩ ତାରିଖ ପୂର୍ବାହ୍ନ ମଧ୍ୟରେ ଗଞ୍ଜାମ, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ଗଞ୍ଜାମ, ଖୋର୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାପର ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ସାମାନ୍ୟ କମିବ। ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨୪ ତାରିଖ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ସ୍ବଳ୍ପ ବର୍ଷା ହେବାକୁ ଥିବା ବେଳେ ପଶ୍ଚିମ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଲଘୁଚାପ ଅଧିକ ଘନୀଭୂତ ହୋଇ ଆଜି ମଧ୍ୟାହ୍ନ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବିଶାଖାପାଟଣାଠାରୁ ଦୂରରେ ରହିଥିଲା। ଏହା ଉପକୂଳ ନିକଟତର ହେବ ଏବଂ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବ। ୨୨ ତାରିଖ ମଧ୍ୟାହ୍ନ ବେଳକୁ ଅବପାତରେ ପରିଣତ ହୋଇ ପଲାସା ଓ ଗୋପାଳପୁର ଦୂରରେ ରହିବ। ୨୩ ତାରିଖ ମଧ୍ୟାହ୍ନ ବେଳକୁ ଗଭୀର ଅବପାତରେ ପରିଣତ ହୋଇ ଚାନ୍ଦବାଲିର ଦୂରରେ ରହିବ। ୨୩ ତାରିଖ ମଧ୍ୟରାତ୍ରି ବେଳକୁ ପଶ୍ଚିମବଙ୍ଗ ଓ ବାଂଲାଦେଶର ସାଗର ଦ୍ବୀପ ଅତିକ୍ରମ କରିବା ପରେ ଦୁର୍ବଳ ହୋଇ ବାଂଲାଦେଶ ସ୍ଥଳଭାଗକୁ ଯିବାର ସମ୍ଭାବନା ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/weather-2.jpg)