ଗୁରୁବାର ପର୍ଯ୍ୟନ୍ତ ବହୁ ଜିଲ୍ଲାରେ ରହିଛି ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା

ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପରେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଜନିତ ବର୍ଷାର ପ୍ରଭାବ ନଥିଲେ ମଧ୍ୟ ଆସନ୍ତା ଗୁରୁବାର ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏବଂ ଆଣ୍ଡାମାନ ସାଗରର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ବର୍ତ୍ତମାନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଅବସ୍ଥିତ ରହିଛି ଏବଂ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତୃତ ହୋଇଛି। ଏଥିସହ ବିହାରରୁ ଉତ୍ତର ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ଉତ୍ତର-ଦକ୍ଷିଣ ଟ୍ରଫ୍‌ ଲାଇନ୍‌ ସକ୍ରିୟ ରହିବା ସହ ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାର ହୋଇ ରହିଛି।

ଏହାର ପ୍ରଭାବରେ ଆଜି ଅପରାହ୍ନ ଠାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାର ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ କୋରାପୁଟ, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ସେହିପରି ଏହି ସମୟ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ମଧ୍ୟ ରହିଛ।

ସେହିପରି ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରୁ ଆରମ୍ଭ କରି ଉପକୂଳ ଓଡ଼ିଶା ଜିଲ୍ଲାମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ମାତ୍ରାରେ ରହିଛି। ଏହି ସମୟ ମଧ୍ୟରେ ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହଥିବାରୁ ଉପରୋକ୍ତ ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧିତ ଖବର