ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ଆକଳନ ଅନୁସାରେ ଆସନ୍ତାକାଲି ସକାଳ ୮ଟା ୩୦ ସୁଦ୍ଧା କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଗଂଜାମ, ବାଲେଶ୍ୱର, ଭଦ୍ରକ ଓ ମୟୂରଭଂଜ ଜିଲ୍ଲାରେ ବର୍ଷା ହୋଇପାରେ।

ସେହିପରି ପାଣିପାଗ ବିଭାଗ ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରୁ ୧୬ ତାରିଖ ୮ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଅନୁଗୁଳ, କଟକ ଓ ଜଗତ୍‌ସିଂହପୁର ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଜୁନ ୧୯ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ।

ପାଣିପାଗ ବିଭାଗ ତରଫରୁ ଚାଷୀମାନଙ୍କୁ ସତର୍କ ସୂଚନା ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଆଭନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବ। କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଗଂଜାମ, ବାଲେଶ୍ୱର, ଭଦ୍ରକ ଓ ମୟୂରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ସମ୍ବନ୍ଧିତ ଖବର