୨୮ରୁ ଓଡ଼ିଶାରେ ବଢ଼ିବ ବର୍ଷା, ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ପରାମର୍ଶ

ଭୁବନେଶ୍ବର : ୨୮ ତାରିଖଠାରୁ ଓଡ଼ିଶାରେ ବଢ଼ିବ ବର୍ଷା। ଉପକୂଳ ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ। ସ୍ଥାନେ ସ୍ଥାନେ ଶହେ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ତାହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୩୦ ତାରିଖ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯିବା ସହ ଯେକୌଣସି ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି।

ବିଭାଗ ପକ୍ଷରୁ କୁହାଯାଇଛି ଯେ ୨୮ ତାରିଖ ବେଳକୁ ଉତ୍ତର ବଙ୍ଗୋ‌ପସାଗର ଓ ଏହା ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପବଳୟ ସୃଷ୍ଟି ହେବ। ପ୍ରଭାବରେ ୨୮ ତାରିଖଠାରୁ ଓଡ଼ିଶାରେ ବର୍ଷା ବଢ଼ିବ। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତେବେ ୨୯ ଓ ୩୦ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ସମୟ ମଧ୍ୟରେ ଗଞ୍ଜାମ, ପୁରୀ, କଳାହାଣ୍ଡି, ‌କୋରାପୁଟ, ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ଏହାବ୍ୟତୀତ ମାଲକାନଗିରି, ରାୟଗଡ଼ା, ଗଜପତି, ବୌଦ୍ଧ, ନୟାଗଡ଼, ଖୋର୍ଧା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ବରଗଡ଼, ବଲାଙ୍ଗିର ଓ ନୂଆପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତାହାକୁ ଦୃଷ୍ଟିରେ ରଖି ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର ଓ ଭଦ୍ରକରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉପକୂଳ ଓଡ଼ିଶାରେ ହାଲ୍‌କା ବର୍ଷା ହୋଇପାରେ। ରାଜସ୍ଥାନରୁ ଏକ ଟ୍ରପ ଲାଇନ୍‌ ପାରାଦୀପ ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଏଥିସହ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ। ତେଣୁ ବୁଧବାର ସକାଳ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ସମ୍ବନ୍ଧିତ ଖବର