ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ବିହାର ଓ ସଂଲଗ୍ନ ପୂର୍ବ ଉତ୍ତରପ୍ରଦେଶ ଉପରେ ରହିଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଆଜି ସେହି ଅଞ୍ଚଳରେ ହିଁ ରହିଥିଲା। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ-ପଶ୍ଚିମ ବିହାର ଓ ପୂର୍ବ ଉତ୍ତରପ୍ରଦେଶ ଉପରେ ରହିବ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ବର୍ଷା ପ୍ରବଳ ହୋଇଥିବା ବେଳେ ଆସନ୍ତାକାଲି ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହିଭଳି ଭାବେ ରାଜ୍ୟରେ ୨୦ ତାରିଖ ଯାଏଁ ବର୍ଷା ଜାରି ରହିବ। ୨୧ ତାରିଖରେ ବି କିଛି କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।