୪ ଦିନ ପ୍ରବଳ ବର୍ଷା ସମ୍ଭାବନା, ୬ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ବର : ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଶୁକ୍ରବାର ସକାଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା, ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ ବଳୟ ସୃଷ୍ଟି କରିଛି। ଏହା ଆସନ୍ତା ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସହ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ ଓ ଓଡ଼ିଶା ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ଆସନ୍ତା ୪ ଦିନ ଅର୍ଥାତ ୧୫ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସମୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅବଶିଷ୍ଟ ଅଞ୍ଚଳକୁ ମୌସୁମୀ ସ୍ପର୍ଶ କରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି।

ବିଶିଷ୍ଟ ପାଣିପାଗ ବୈଜ୍ଞାନିକ ଡ. ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ଅନୁଯାୟୀ ଲଘୁଚାପ ଯୋଗୁଁ ସାରା ରାଜ୍ୟରେ ଭୀଷଣ ବର୍ଷା କରାଇବ। ସମ୍ଭବତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବ। ଉପକୂଳ ଓଡ଼ିଶାରେ ଗୋଟିଏ ପର୍ଯ୍ୟାୟରେ ବର୍ଷା ହେବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ୨ଟି ପର୍ଯ୍ୟାୟରେ ଏହି ଲଘୁଚାପଜନିତ ବର୍ଷା ହେବ। ଜୁନ୍‌ ୧୨ ଓ ୧୩ତାରିଖରେ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶା ଓ ୧୪ରୁ ୧୬ ତାରିଖରେ ସାରା ଓଡ଼ିଶାରେ ବର୍ଷା ହେବ। ୧୭ରୁ ୧୮ ବା ୧୯ତାରିଖ ଯାଏ ପାଗ ପ୍ରାୟତଃ ଶୁଖିଲା ରହିବ। ଏହାପରେ ପୁଣି ୩ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ।

୧୪ ଓ ୧୫ ତାରିଖରେ ପୁରୀ, ଖୋର୍ଧା, ଗଞ୍ଜାମ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ। ଜଗତସିଂହପୁର, କଟକ, ଢେଙ୍କାନାଳ, ନୟାଗଡ଼, ଗଜପତି, ଆଭ୍ୟନ୍ତରୀଣ ଗଞ୍ଜାମ ଓ ରୟଗଡ଼ାରେ ଭାରି ବର୍ଷା ଓ କେତକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ବାକି ଅଞ୍ଚଳରେ ମଧ୍ୟମରୁ ଭାରି ବର୍ଷା ହେବ। ୧୬ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସୁବର୍ଣ୍ଣରେଖ‌ା ଫୁଲିବା ଓ ବନ୍ୟା ଆଶଙ୍କାକୁ ଏଡ଼ାଯାଇ ନପାରେ।

ଆସନ୍ତାକାଲି ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼ ଓ ଅନୁଗୁଳ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ୬ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ମାଲକାନଗିରି, କୋରାପୁଟ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାଜ୍ୟର ଅନ୍ୟ କିଛି ଜିଲ୍ଲା ଯଥା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ‌୧୩ ତାରିଖରେ ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡ଼ିକ ହେଲା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ ଓ ବୌଦ୍ଧ। ଏସବୁ ଜିଲ୍ଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କଟକ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିଭଳି ୧୪ ତାରିଖ ଦିନ କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ସହ ୧୫ତାରିଖ ଦିନ ବର୍ଷାର ବିସ୍ତୃତି ଓ ପ୍ରଭାବ କମିବ। ଆସନ୍ତା ୧୪ତାରିଖ ଯାଏ ଓଡ଼ିଶା ଉପକୂଳ ଓ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ପବନର ବେଗ ଅଧିକ ରହିବ।

ସମ୍ବନ୍ଧିତ ଖବର