ଭୁବନେଶ୍ବର: ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟ ଉତ୍ତର ଓଡ଼ିଶା ସମେତ ଅନ୍ୟ କିଛି ଜିଲ୍ଲାରେ ଏଭଳି ପାଗ ଲାଗିରହିବ। ମଙ୍ଗଳବାର ସକାଳ ସୁଦ୍ଧା ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୨୦ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ଦୁଇ ଦିନ ବର୍ଷା ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ ୨୩ ତାରିଖଠାରୁ ବର୍ଷା ପୁଣି ବଢ଼ିବ। ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ସେପଟେ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍ କମିସନର(ଏସ୍ଆରସି)ଙ୍କ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି। ପରିସ୍ଥିତି ଉପରେ ନଜର ରଖିବା ସହ ଜଳବନ୍ଦୀ ଭଳି ସମସ୍ୟା ଏଡ଼ାଇବା ଦିଗରେ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଲଘୁଚାପ ପ୍ରଭାବରେ ୧୮ରୁ ୨୦ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୩୫ରୁ ୪୫ କିମି ବେଗରେ ପବନ ବହିବାକୁ ଥିବାରୁ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।