ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୧୦ ତାରିଖରୁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା

ଭୁବନେଶ୍ବର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋ‌ପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହା ଧୀରେଧୀରେ ପଶ୍ଚିମ ଉତ୍ତର-ପଶ୍ଚିମକୁ ଗତି କରିବ ଓ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଫଳରେ ୧୦ତାରିଖରୁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

MetWeather

କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୧୦ ଓ ୧୧ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୧୦ ତାରିଖ ଦିନ ରାଜ୍ୟର ୮ଟି ଜିଲ୍ଲାରେ ଯଥା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୧ତାରିଖ ଦିନ ବର୍ଷାର ପ୍ରକୋପ ବଢ଼ିବ। ଏ ଦିନ ୧୦ଟି ଜିଲ୍ଲାରେ ଅତିପ୍ରବଳ ବର୍ଷିବ। ଏହି ଜିଲ୍ଲାଗୁଡ଼ିକ ହେଲା, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ପୁରୀ ଓ ବୌଦ୍ଧ। ଏସବୁ ଜିଲ୍ଲାରେ ବର୍ଷାର ପରିମାଣକୁ ଲକ୍ଷ୍ୟ ରଖି କେନ୍ଦ୍ର ପକ୍ଷରୁ ୧୧ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ବର୍ଷାର ପରିମାଣ ୬୪ମିମିରୁ ୨୦୪ ମିମି ପର୍ଯ୍ୟନ୍ତ ରହିବ।

skymetweather.com

ଖାଲି ସେତିକି ନୁହେଁ, ଆସନ୍ତାକାଲି ଅର୍ଥାତ୍‌ ୮ ତାରିଖ ଓ ୯ ତାରିଖରେ ରାଜ୍ୟରେ କାଳବୈଶାଖୀଜନିତ ବର୍ଷା ଲାଗି ରହିବ। ସୋମବାର ରାଜ୍ୟର ଉତ୍ତର ଉପକୂଳ ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ନବରଙ୍ଗପୁର ଆଜି ଜିଲ୍ଲାର କିଛି କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ଓ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୯ ତାରିଖ ଦିନ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ହେବ। ଏଥିସହ ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦ୍ର ପକ୍ଷରୁ ୮ ଓ ୯ ତାରିଖ ପାଇଁ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ନିମନ୍ତେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର