ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ଉତ୍ତର ଓ ତତ୍‌ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୨.୧ରୁ ୫.୮ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲା ତଥା ଓଡିଶାର ଅନ୍ୟାନ୍ୟ ଜିଲ୍ଲାମାନଙ୍କରେ ଅଧିକାଂଶ ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କହୁଯାଇଛି।
ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ରବିବାର ଅପରାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ ଏବଂ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

Metweather

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର କେନ୍ଦୁଝର, ଅନୁଗୁଳ, ଙ୍କୋନାଳ, ଯାଜପୁର, ଭଦ୍ରକ, ବଲାଙ୍ଗୀର ଏବଂ ବୌଦ୍ଧ ଜିଲ୍ଲାର ଗୋଟିଏ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ ହଳଦିଆ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପକ୍ଷରେ ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ବରଗଡ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାର କରାଯାଇଛି।
ସେହିପରି ସୋମବାର ଅପରାହ୍ନ ସୁଦ୍ଧା ସୁନ୍ଦରଗଡ, ଦେବଗଡ, ନୂଆପଡା, କାଳାହାଣ୍ଡି, କାନ୍ଧମାଳ, କଟକ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧିତ ଖବର