ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲା ରହିଛି। ଏହି ଜିଲ୍ଲାଗୁଡ଼ିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏଥିସହିତ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଭଦ୍ରକ, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ରହିଛି।
ଏଥିସହିତ ୨୦ରୁ ୨୧ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଦୃଷ୍ଟିରେ ରଖି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ଚାନ୍ଦବାଲି ଓ ତାଳଚେରରେ ୩୪.୮ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ସୁନ୍ଦରଗଡ଼ରେ ୨୧.୦ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।