ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର ତେଲେଙ୍ଗାନା ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମେତ ୧୬ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ଯେ ଆସନ୍ତକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ଏହି ୪ଜିଲ୍ଲା ସମେତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୯ ତାରିଖ ଦିନ ମଧ୍ୟ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ। ୧୯ ତାରିଖ ଦିନ ରାଜ୍ୟର ୧୯ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏଥିସହ ଆସନ୍ତକାଲି ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ବର୍ଷା ବି ହୋଇପାରେ। ଏହି ଅଞ୍ଚଳରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୯ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ରହିବ।

ସମ୍ବନ୍ଧିତ ଖବର