ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ହୋଇଛି। ଏଥିସହ ଆସନ୍ତା ୨୭ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ୨୬ ତାରିଖଠାରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିପାରେ। କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ମଧ୍ୟ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍ କମିସନର(ଏସ୍ଆରସି) ସତ୍ୟବ୍ରତ ସାହୁ ଆଜି ସମସ୍ତ ଜିଲ୍ଲାପାଳ ଓ ମହାନଗର ନିଗମ କମିସନରଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀ ସାହୁ କହିଛନ୍ତି ଯେ ପ୍ରବଳ ବର୍ଷା ହେବାକୁ ଥିବାରୁ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିପାରେ। ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ। ଭୂସ୍ଖଳନ ହେବାର ମଧ୍ୟ ଆଶଙ୍କା ରହିଛି। ତେଣୁ ଜିଲ୍ଲାପାଳମାନେ ଏଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିବାକୁ ମୁଖ୍ୟାଳୟ ଛାଡ଼ି ନ ଯିବା, ପ୍ରବଳ ବର୍ଷା ହେଲେ ତଳିଆ ଅଞ୍ଚଳ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା, ସହରାଞ୍ଚଳରେ ଡ୍ରେନ୍କୁ ସଫା ରଖିବା, ଟ୍ରାଫିକ୍ ପରିଚାଳନା ଠିକ୍ ଭାବେ କରିବା, ଜଳ ନିଷ୍କାସନ ପାଇଁ ଆଗୁଆ ପାଣି ପମ୍ପ ମହଜୁଦ ରଖିବା, ନଦୀ/କେନାଲର ଦୁର୍ବଳ ସ୍ଥାନ ଚିହ୍ନଟ ସହ ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ତେବେ ୨୮ ତାରିଖ ପରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, କେଉଁଝର, ମୟୂରଭଞ୍ଜ, ଯାଜପୁର, ଢ଼େଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।
ସୂଚନାଯୋଗ୍ୟ ଯେ ଜୁନ୍ ୧ରୁ ଆଜି ମଧ୍ୟରେ ୪ଟି ଜିଲ୍ଲା ଯଥା ମୟୂରଭଞ୍ଜ, ବାଲେଶ୍ବର, ପୁରୀ ଓ ବଲାଙ୍ଗୀରରେ ନିଅଣ୍ଟିଆ ବର୍ଷା ପରିମାଣ ଅଧିକ ରହିଛି। ଜଗତ୍ସିଂହପୁର, ଢେଙ୍କାନାଳ, ସମ୍ବଲପୁର, କନ୍ଧମାଳ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି। ବାକି ୨୦ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଲାଗିରହିଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ଖୁବ୍ କମ୍ ନିଅଣ୍ଟିଆ ବର୍ଷା ହୋଇଛି।