କଟକ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଆଇନ,୧୯୫୪ର ସଂେଶାଧିତ ଧାରା ୧୬(୨) ଆଧାରରେ କଣ ସବୁ କାରବାର କରାଯାଇଛି ଓ କେତେ ଜମି ବିକ୍ରି କରାଯାଇଛି ସେ ନେଇ ସବିଶେଷ ତଥ୍ୟ ଦାଖଲ ପାଇଁ ରାଜ୍ୟ ସରକାର ଓ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ବିଦ୍ୟୁତ୍ ରଂଜନ ଷଡ଼ଙ୍ଗୀ ଓ ଜଷ୍ଟିସ ଏମ.ଏସ.ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଏ ସଂପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି ସମୟରେ ଆବେଦନକାରୀଙ୍କ ତରଫରୁ ଦର୍ଶାଯାଇଛି ଯେ ରାଜ୍ୟ ସରକାର ଓ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନଙ୍କ ଜବାବରେ ସଂଶୋଧିତ ଧାରା ଅନୁସାରେ ହୋଇଥିବା କାରବାର ସଂପର୍କରେ ସବିଶେଷ ତଥ୍ୟ ନାହିଁ। ଏଭଳି ସ୍ଥିତିରେ ଏହି ପ୍ରସଂଗରେ ସାନି ସତ୍ୟପାଠ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଦୁଇ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।
ଏଠାରେ ଉଲ୍ଲେଖଯୋଗ୍ୟ ଯେ ୨୦୨୨, ମାର୍ଚ୍ଚ ୧୫ରେ ହାଇକୋର୍ଟ ଏହି ମାମଲାରେ ରାଜ୍ୟ ସରକାର, ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ, ଉପପ୍ରଶାସକ, ପରିଚାଳନା କମିଟି, ଦେବୋତ୍ତର କମିସନ ଓ ଅନ୍ୟମାନଙ୍କୁ ନୋଟିସ୍ ଜାରି କରି ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଶ୍ରୀଜଗନ୍ନାଥ ମନ୍ଦିର ଆଇନ,୧୯୫୪ର ସଂେଶାଧିତ ଧାରା ୧୬(୨) ଆଧାରରେ ଗ୍ରହଣ କରାଯାଉଥିବା ସମସ୍ତ ପଦକ୍ଷେପର ଭବିଷ୍ୟତ ମାମଲାର ଚୂଡାନ୍ତ ରାୟ ଉପରେ ନିର୍ଭର କରିବ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ। ଆଇନରେ ସଂଶୋଧନ ପରେ ନୂଆ ଧାରା ୧୬(୨) ଅନୁସାରେ କରାଯାଇଥିବା ସମସ୍ତ କାରବାରର ସବିଶେଷ ବିବରଣୀ ଜବାବରେ ପ୍ରତିପକ୍ଷ ଉଲ୍ଲେଖ କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମାମଲାର ବିବରଣୀରୁ ପ୍ରକାଶ ଯେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅାଇନରେ ରାଜ୍ୟ ସରକାର ସଂଶୋଧନ କରିଥିଲେ। ଏପରି ସଂଶୋଧନକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିଥିଲା। ସଂଶୋଧନ ନେଇ ୨୦୨୨, ଜାନୁଆରି ୯ରେ ଅଧ୍ୟାଦେଶ ଜାରି କରାଯାଇଥିଲା। ବିଶେଷକରି ପୂର୍ବରୁ ଥିବା ଅାଇନ ଅନୁସାରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଶ୍ରୀଜଗନ୍ନାଥଙ୍କ ନାମରେ ରହିଥିବା କୌଣସି ଅସ୍ଥାବର ସମ୍ପତ୍ତି ଦାଖଲକୁ ନେଇଥିଲେ ସୁଦ୍ଧା ରାଜ୍ୟ ସରକାରଙ୍କ ପୂର୍ବ ଅନୁମତି ବିନା ଏହାକୁ ବିକ୍ରି କରିପାରିବ ନାହିଁ, କିମ୍ବା କାହାକୁ ଲିଜ୍ ସୂତ୍ରରେ ଦେଇପାରିବ ନାହିଁ। ସେହିପରି କୌଣସି ପରିସ୍ଥିତିରେ ସରକାରଙ୍କ ବିନା ଅନୁମତିରେ ମନ୍ଦିର ପରିଚାଳନା କମିଟି ଶ୍ରୀଜଗନ୍ନାଥଙ୍କ ଜମିକୁ ବନ୍ଧକ ରଖି ପାରିବେ ନାହିଁ ବୋଲି ଆଇନରେ ବ୍ୟବସ୍ଥା ଥିଲା। ଶ୍ରୀଜଗନ୍ନାଥ ମନ୍ଦିର ଆଇନରେ ଥିବା ଏଭଳି ବ୍ୟବସ୍ଥାରେ ସରକାର ସଂଶୋଧନ ଆଣି ଧାରା ୧୬(୨) ଯୋଡି ଥିଲେ। ଅାଇନରେ ସଂଶୋଧନ ଅଣାଯିବା ଦ୍ୱାରା ସମସ୍ତ କ୍ଷମତା ମନ୍ଦିର ପରିଚାଳନା କମିଟି ହାତକୁ ଯାଇଥିଲା। ଶ୍ରୀଜଗନ୍ନାଥଙ୍କ ଅସ୍ଥାବର ସଂପତ୍ତି ବିକ୍ରି ବା ଲିଜ୍ରେ ଦେବା ପାଇଁ ପରିଚାଳନା କମିଟିକୁ ଆଉ ରାଜ୍ୟ ସରକାରଙ୍କ ପୂର୍ବ ଅନୁମତି ଆବଶ୍ୟକ ନାହିଁ। ଆଇନରେ ସଂଶୋଧନ ଆଣି ସରକାର ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିକୁ ଏପରି କ୍ଷମତା ପ୍ରଦାନ କରିବା ଦ୍ବାରା ଶ୍ରୀଜଗନ୍ନାଥଙ୍କ ସଂପତ୍ତି ପ୍ରତି ବିପଦ ଦେଖା ଦେଇଛି ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ଏପରି କ୍ଷମତାର ଅପବ୍ୟବହାର ହେବାର ସମ୍ଭାବନା ରହିଛି। ଏବେ ୩୫ ହଜାର ଏକର ଜମି ଶ୍ରୀଜଗନ୍ନାଥଙ୍କ ନାଁରେ ରେକର୍ଡଭୁକ୍ତ ହୋଇ ରହିଥିବା ବେଳେ ଆଉ ୨୫ ହଜାର ଏକର ଜମି ରେକର୍ଡଭୁକ୍ତ ହୋଇ ପାରି ନାହିଁ। ଶ୍ରୀଜଗନ୍ନାଥଙ୍କ ସଂପତ୍ତିର ସୁରକ୍ଷାକୁ ଦୃଷ୍ଟିରେ ରଖି ଆଇନରେ କରାଯାଇଥିବା ଜାନୁଆରି ୯ର ସଂଶୋଧନକୁ ରଦ୍ଦ କରାଯାଉ ବୋଲି ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଛି। ଆବେଦନକାରୀ ଦିଲ୍ଲୀପ କୁମାର ବରାଳଙ୍କ ତରଫରୁ ଆଇନଜୀବୀ ଅନୁପ କୁମାର ମହାପାତ୍ର ମାମଲା ପରିଚାଳନା କରୁଛନ୍ତି।