ଟିକା ଭଣ୍ଡାର ଏବଂ ତରଳ ମେଡିକାଲ ଅମ୍ଳଜାନ ସଂରକ୍ଷଣ ଓ ବଣ୍ଟନ ପାଇଁ ଭିତ୍ତିଭୂମିର ଉଦ୍‌ଘାଟନ

ଦେବଗଡ଼ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସ ଜରିଆରେ ଶୁକ୍ରବାର ଦେବଗଡ଼ ଜିଲ୍ଲାରେ ଟିକା ଭଣ୍ଡାର ଏବଂ ତରଳ ମେଡିକାଲ ଅମ୍ଳଜାନ ସଂରକ୍ଷଣ ଓ ବଣ୍ଟନ ପାଇଁ ଭିତ୍ତିଭୂମିର ଉଦଘାଟନ କରିଥିଲେ। ଜିଲ୍ଲାର ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମଠ‌ାରେ ଆୟୋଜିତ କାର୍ଯ୍ୟକ୍ରମରେ ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲ, ସିଡିଏମଓ ଡା. ମନୋଜ ଉପାଧ୍ୟାୟ ଉପସ୍ଥିତ ଥିଲେ।

ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡ଼ିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚ ପ୍ରଶଂସା କରିଥିଲେ ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ସାହୁ। ଏଥିରେ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ। ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅମ୍ଳଜାନ ସଂରକ୍ଷଣ ଓ ବଣ୍ଟନ କରାଯାଇ ପାରିବ। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ପ୍ରଥମ ପ୍ରାଥମିକତା ହେଉଛି ଲୋକଙ୍କ ସ୍ବାସ୍ଥ୍ୟ ସୁରକ୍ଷା। ଏଥିସହିତ ମୁଖ୍ୟମନ୍ତ୍ରୀ ଏଥିପାଇଁ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡି କର୍ମୀଙ୍କୁ ପୁଣିଥରେ ଧନ୍ୟବାଦ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସଚିବ କିଶନ କୁମାରଙ୍କ ସମତେ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀ ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧିତ ଖବର