ଭୁବନେଶ୍ବର: ଜୁନ୍ ୨୧ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ ହେଉଥିବାବେଳେ ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ। କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଏଥିରେ ଯୋଗଦେବେ। ୧୪ଟି ଜିଲ୍ଲାରେ ୧୪ଜଣ ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ।
ବାକି ୧୬ ଜିଲ୍ଲାରେ ସାଂସଦ, ବିଧାୟକ ଯୋଗଦେବେ
କଟକରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପୁରୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଝାରସୁଗୁଡ଼ାରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ସମ୍ବଲପୁରରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ, କନ୍ଧମାଳରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଢେଙ୍କାନାଳରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଖୋର୍ଦ୍ଧାରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅନୁଗୁଳରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଞ୍ଜାମରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମୟୂରଭଞ୍ଜର ବାରିପଦାରେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, କେନ୍ଦୁଝରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, କେନ୍ଦ୍ରାପଡ଼ାରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ନୟାଗଡ଼ରେ ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଜଗତସିଂହପୁରରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଅତିଥି ଭାବେ ଯୋଗଦେବେ। ଯେଉଁ ୧୬ଜିଲ୍ଲାରେ ମନ୍ତ୍ରୀମାନେ ଅତିଥି ହେଉନାହାନ୍ତି ସେଠାରେ ସ୍ଥାନୀୟ ଜିଲ୍ଲାପାଳ କାର୍ଯ୍ୟକ୍ରମ ଆୟୋଜନ କରିବେ। ଏଥିରେ ସ୍ଥାନୀୟ ସାଂସଦ ଓ ବିଧାୟକମାନଙ୍କୁ ଅତିଥି କରିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।