ଭୁବନେଶ୍ବର: ରାଜ୍ୟରେ ଆଜି ପାଗ ମେଘୁଆ ରହିଥିବା ବେଳେ କିଛି କିଛି ସ୍ଥାନରେ ବର୍ଷା ହୋଇଯାଇଛି। ମୌସୁମୀଜନିତ ନିମ୍ନଚାପ ରେଖା ବର୍ତ୍ତମାନ ଉତ୍ତର ଗୁଜରାଟ ଓ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ରାଜସ୍ଥାନ, ସେଓପୁର, ଗୁପା, ଦାମୋହ, ମାନା, ଗୋପାଳପୁର ଉପରେ ଅବପାତର କେନ୍ଦ୍ର ଦେଇ ଗତି କରୁଛି। ସେଠାରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରୁଛି। ଏଥିସହ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି।
ଏହାର ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହ ଦକ୍ଷିଣ, ଉପକୂଳ ଓ ଆଭ୍ୟନ୍ତରରେ ବି ବଜ୍ରପାତ ସହ ବର୍ଷା ହୋଇପାରେ। ରାଜ୍ୟରେ ଏହିଭଳି ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।