NDTV.com
ଭୁବନେଶ୍ବର: ସାରା ରାଜ୍ୟରେ ଏବେ ବର୍ଷା ଜାରି ରହିଥିବା ବେଳେ କିଛି ଜିଲ୍ଲାରେ ଆଜି ଭୀଷଣ ବର୍ଷିଛି। ବିଶେଷ କରି କଟକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଯାଇଛି। ଗତକାଲି ଦକ୍ଷିଣ-ଉପକୂଳ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଆଜି ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ଲଘୁଚାପ କ୍ଷେତ୍ର ରୂପରେ ରହିଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତାରେ ରହିଥିବା ବେଳେ ଏହା ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଅନ୍ୟପଟେ ମୌସୁମୀ ଟ୍ରଫ୍ଲାଇନ୍ ଉତ୍ତର ଉପକୂଳ ଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରୁଥିବା ଲଘୁଚାପ କ୍ଷେତ୍ର ଦେଇ ଗତି କରୁଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆଉ ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଭୀଷଣ ବର୍ଷିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ପାଣିପାଗ କେନ୍ଦ୍ର କହିଛି ଯେ ଆସନ୍ତାକାଲି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷିପାରେ। ଏଣୁ ଏସବୁ ଜିଲ୍ଲା ପାଇଁ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ୧୬ ତାରିଖ ଦିନ ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲାରେ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପୁଣି ସମଗ୍ର ଉପକୂଳ ଓଡ଼ିଶା ସମେତ କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହା ପରେ ଧୀରେଧୀରେ ବର୍ଷାର ପ୍ରଭାବ କମିବ। ୧୮ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
Follow Us