ଭୁବନେଶ୍ବର : ଦେଶରେ ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠାରେ ୧୧୪ଟି ସହରରୁ ୮୫ଟି ସହରରେ ଶତପ୍ରତିଶତ ପାଇପ ଜଳଯୋଗାଣ କରାଯାଇପାରିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୪୦ ଜଣ ଜଳସାଥୀ ୮ଲକ୍ଷ ୪୦ହଜାର ଉପଭୋକ୍ତାଙ୍କ ଜଳଯୋଗାଣ ବ୍ୟବସ୍ଥାକୁ ପରିଚାଳନା କରୁଛନ୍ତି। ଜଳକର ବାବଦରେ ୬୭ କୋଟି ଟଙ୍କା ଆଦାୟ କରିଛନ୍ତି । ସେମାନଙ୍କ ଯୋଗୁଁ ମିଟର ରିଡିଂ, ଜଳକର ଆଦାୟ ଓ ବେନିୟମ ପାଇପ ସଂଯୋଗ ଦୂର କରିବା କାର୍ଯ୍ୟରେ ବହୁତ ଉନ୍ନତି ଆସିଛି। ଜଳସାଥୀମାନେ ଭଲ କାମ କରୁଛନ୍ତି। ତେଣୁ ସେମାନଙ୍କ ଯାତାୟତର ସୁବିଧା ପାଇଁ ସାଇେ‌କଲ୍‌ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

Advertisment

ବୁଧବାର ଦିନ ଲୋକସେବା ଭବନସ୍ଥିତ କନଭେନ୍‌ସନ୍ ସେଣ୍ଟରରେ ଜଳସାଥୀମାନଙ୍କ ପାଇଁ ଆୟୋଜିତ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କହିଛନ୍ତି ଯେ, ଜଳସାଥୀମାନେ ସରକାରଙ୍କ ଜଳଯୋଗାଣ ବିଭାଗ ଓ ଉପଭୋକ୍ତାଙ୍କ ମଧ୍ୟରେ ସେତୁ ସାଜି ଉଭୟଙ୍କ ମଧ୍ୟରେ ବିଶ୍ବାସ ସୃଷ୍ଟି କରିପାରିଛନ୍ତି। ସେମାନଙ୍କ କାର୍ଯ୍ୟ ଦକ୍ଷତା ଦ୍ବାରା ଜଳଯୋଗାଣର ଗୁଣବତ୍ତା ଓ ନିର୍ଭରଶୀଳତା ପ୍ରତିପାଦିତ ହୋଇପାରିଛି। ବିକେନ୍ଦ୍ରୀକରଣ ଓ ଜନ ଭାଗିଦାରୀ ରାଜ୍ୟ ସରକାରଙ୍କ ସହରାଞ୍ଚଳ ପରିଚାଳନା ମଡେଲର ଦୁଇ ଆଖି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜଳସାଥୀମାନେ ଏହି ଉଭୟ ଆଖିକୁ ପ୍ରତିନିଧିତ୍ବ କରୁଛନ୍ତି। ୩ ବର୍ଷ ତଳେ ୫-ଟି ଉପକ୍ରମରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଆଜି ସାରା ଓଡ଼ିଶାର ସହରାଞ୍ଚଳରେ ଜଳସାଥୀମାନେ ଜଳଯୋଗାଣ କାର୍ଯ୍ୟକ୍ରମକୁ ସଫଳତାର ସହ ପରିଚାଳନା କରୁଛନ୍ତି।

୮୫ଟି ସହରରେ ସମସ୍ତଙ୍କୁ ପାଇପ୍‌ ପାଣି ଯୋଗାଣରେ ଓଡ଼ିଶା ଦେଶର ଏକମାତ୍ର ରାଜ୍ୟ
୨୦୨୩ ଶେଷ ସୁଦ୍ଧା ଆଉ ୨୦ ସହରରେ ସମସ୍ତଙ୍କୁ ମିଳିବ ପାଇପ୍‌ ପାଣି

ସେହିପରି ଜଳସାଥୀ କାର୍ଯ୍ୟକ୍ରମ ସଫଳତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମିସନ ଶକ୍ତି ଗୋଷ୍ଠୀଙ୍କୁ ସମ୍ପତ୍ତି କର ଆଦାୟ କରିବା ଦାୟିତ୍ବ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଦ୍ବାରା ସହରାଞ୍ଚଳରେ ରାଜସ୍ବ ବୃଦ୍ଧି ହେବା ସହିତ ମିସନ ଶକ୍ତି ମା’ ମାନଙ୍କର ଆର୍ଥିକ ଅଭିବୃଦ୍ଧି ସହ ସଶକ୍ତୀକରଣ ହୋଇପାରିବ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜାଗା ମିସନ୍‌ ଓ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ପରି କାର୍ଯ୍ୟକ୍ରମ ଓଡ଼ିଶାର ସହରାଞ୍ଚଳ ପାଇଁ ଏକ ସଫଳତାର କାହାଣୀ ହୋଇପାରିଛି।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା ଦେବୀ କହିଥିଲେ ଯେ ମା’ ମାନଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଆଜି ସଫଳତାର ସହ କାର୍ଯ୍ୟକାରୀ ହୋଇଛି। ମହିଳା ସଶକ୍ତୀକରଣ ଦିଗରେ ଏହା ଏକ ଅନନ୍ୟ ଉଦାହରଣ।

କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାଥନନ୍‌ ସ୍ବାଗତ ଭାଷଣ ଦେଇ କହିଥିଲେ, ରାଜ୍ୟର ସହରାଞ୍ଚଳର ୯୭% ଲୋକ ଏବେ ପାଇପ ଜଳ ପାଇପାରୁଛନ୍ତି। ରାଜ୍ୟର ୮୫ଟି ସହରରେ ଶତପ୍ରତିଶତ ପାଇପ ଜଳଯୋଗାଣ ହୋଇଥିବା ବେଳେ, ବାକି ୨୦ଟି ସହରରେ ଡିସେମ୍ବର ୨୦୨୩ ସୁଦ୍ଧା ପାଇପ ଜଳର ବ୍ୟବସ୍ଥା ସଂପୂର୍ଣ୍ଣ ହେବ। ମଞ୍ଚରେ ୱାଟ୍‌କୋର ସିଇଓ ଇଂ. ପି.କେ ସ୍ବାଇଁ ଉପସ୍ଥିତ ଥିଲେ। ବିଭାଗୀୟ ସ୍ବତନ୍ତ୍ର ସଚିବ ସାଗରିକା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।