ସ୍କୁଲ ଫି’ ଛାଡ଼ ସଂପର୍କିତ ମାମଲାର ଶୁଣାଣି ଶେଷ: ଗଣଶିକ୍ଷା ସଚିବଙ୍କ ରିପୋର୍ଟ ଦାଖଲ

ବର୍ଷକୁ ୬ ହଜାରରୁ ଅଧିକ ଫି’ ପାଇଁ ୭.୫ରୁ ୨୬ ପ୍ରତିଶତ କାଟିବାକୁ ପ୍ରସ୍ତାବ

କଟକ: ହାଇକୋର୍ଟରେ ଆଜି ସ୍କୁଲ ଫି’ ଛାଡ଼ ସଂପର୍କିତ ମାମଲାର ଶୁଣାଣି ଶେଷ ହୋଇଛି। ହାଇକୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ଆଜି ସରକାରଙ୍କ ପକ୍ଷରୁ ଅଦାଲତରେ ଏକ ପ୍ରସ୍ତାବ ଦାଖଲ ହୋଇ ଫି’ କାଟିବା ସଂପର୍କରେ ରହିଥିବା ପ୍ରସ୍ତାବ ଉପସ୍ଥାପନ କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକର ଆଲୋଚନାକୁ ନେଇ ଏହି ରିପୋର୍ଟ ଦାଖଲ ହୋଇଛି।

ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅଭିଭାବକ ମହାସଂଘର ପ୍ରତିନିଧି, ହାଇକୋର୍ଟରେ ମାମଲା ଦାୟର କରିଥିବା ଆବେଦନକାରୀଙ୍କ ପ୍ରତିନିଧି, ଓଡ଼ିଶା ଘରୋଇ ସ୍କୁଲ ଶିକ୍ଷକ ସଂଘର ପ୍ରତିନିଧି ଓ କନଫେଡେରେସନ୍ ଅଫ୍ ପବ୍ଲିକ୍ ସ୍କୁଲର ପ୍ରତିନିଧି ଯୋଗ ଦେଇଥିଲେ। ବୈଠକରେ ଗ୍ରହଣ କରାଯାଇଥିବା ପ୍ରସ୍ତାବ ଅନୁସାରେ ସ୍କୁଲ ଫି’ କିଛି ଅଂଶରେ ଛାଡ଼ କରାଯିବା ପାଇଁ ସୁପାରିସ କରାଯାଇଛି। ୭ଟି ସ୍ଲାବ୍‌ରେ ସ୍କୁଲ ଫି ଛାଡ଼ ପାଇଁ ପ୍ରସ୍ତାବ ରହିଛି। ଯଦି ବାର୍ଷିକ ଟିଉସନ୍ ଫି’ ୬ ହଜାର ଟଙ୍କା ପର୍ଯ୍ୟନ୍ତ ସ୍କୁଲ ନେଉଥାଏ ତେବେ ଏଥିରେ କିଛି ଛାଡ଼ କରାଯିବ ନାହିଁ। ୬୦୦୧ରୁ ୧୨ ହଜାର ଟଙ୍କା ପର୍ଯ୍ୟନ୍ତ ଟିଉସନ୍ ଫି ଉପରେ ୭.୫ ପ୍ରତିଶତ, ୧୨୦୦୧ରୁ ୨୪ ହଜାର ପର୍ଯ୍ୟନ୍ତ ୧୨ ପ୍ରତିଶତ, ୨୪,୦୦୧ରୁ ୪୮ ହଜାର ପର୍ଯ୍ୟନ୍ତ ୧୫ ପ୍ରତିଶତ, ୪୮୦୦୧ରୁ ୭୨ ହଜାର ପର୍ଯ୍ୟନ୍ତ ୨୦ ପ୍ରତିଶତ, ୭୨୦୦୧ରୁ ୧ ଲକ୍ଷ ପର୍ଯ୍ୟନ୍ତ ୨୫ ପ୍ରତିଶତ ଓ ଏହାପରେ ୨୬ ପ୍ରତିଶତ ଟିଉସନ୍ ଫି ଛାଡ ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଛି। ଏଥିସହିତ ପରିବହନ ଓ ଖାଦ୍ୟ ବାବଦ ଖର୍ଚ୍ଚ ମନଇଚ୍ଛା ସ୍କୁଲ ପକ୍ଷରୁ ଆଦାୟ କରା ନ ଯାଇ ପ୍ରକୃତ ସ୍ଥିତିକୁ ଦେଖି ନିଆଯିବ। ହଷ୍ଟେଲ ଫି’ ୩୦ ପ୍ରତିଶତ ଛାଡ କରାଯିବ। ଆକ୍ଟିଭିଟି ଫି, ଲଣ୍ଡ୍ରି ଫି, ଏକ୍ସଟର୍ନାଲ ଏକ୍‌ଜାମ ଫି’ , ୟୁନିଫର୍ମ ଫି’, କନଭେୟାନ୍ସ ଫି’, ଏଜୁକ୍ୟୁରିସନ୍ ଫି’, ରିଆଡମିସନ୍ ଫି’, ଡେଭେଲପମେଣ୍ଟ ଫି’, ବାର୍ଷିକ ଫି’ ଏହି ମହାମାରୀ ସମୟରେ ସ୍କୁଲ ଖୋଲିବା ପର୍ଯ୍ୟନ୍ତ ନିଆଯିବ ନାହିଁ ବୋଲି ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ଏହି ବୈଠକରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତିରେ ୧୫ ଜଣ ସଦସ୍ୟଙ୍କ ମଧ୍ୟରୁ ୧୪ଜଣ ସମ୍ମତି ପ୍ରକାଶ କରିଥିବା ବେଳେ ରିଟ୍ ପିଟିସନ୍ ନମ୍ବର.୧୧୨୯୯/୨୦୨୦ର ଆବେଦନକାରୀଙ୍କ ପ୍ରତିନିଧି ସମ୍ମତି ପ୍ରଦାନ କରି ନଥିଲେ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍ ଓ ଡକ୍ଟର ଜଷ୍ଟିସ ବି.ଆର.ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଆଜି ମାମଲାର ଶୁଣାଣି ସମୟରେ କେତେକ ଘ‌େରାଇ ସ୍କୁଲ ପକ୍ଷରୁ ଏପରି ରିପୋର୍ଟକୁ ବିରୋଧ କରାଯାଇଥିଲା। ମାମଲାର ବିବରଣୀରୁ ପ୍ରକାଶ ଯେ ସ୍କୁଲ ଫି ଛାଡ଼ ପ୍ରସଂଗକୁ ନେଇ ହାଇକୋର୍ଟରେ ତିନୋଟି ମାମଲା ରୁଜୁ ହୋଇଥିବା ବେଳେ ମାମଲାରେ ପକ୍ଷଭୁକ୍ତ ହେବା ପାଇଁ ଘରୋଇ ସ୍କୁଲ ସଂଘ କନଫେଡେରେସନ୍ ଅଫ୍ ଓଡ଼ିଶା ପବ୍ଲିକ୍ ସ୍କୁଲ୍‌ସ୍‌ ଓ ସ୍କୁଲ ଶିକ୍ଷକ ସଂଘ ପିଟିସନ୍ ଦାଖଲ କରିଥିଲେ। ଆଇନଜୀବୀ ମହମ୍ମଦ ମୁସ୍ତାକ ଅନସାରୀ, ଭୁବନେଶ୍ବରର ପ୍ରହଲ୍ଲାଦ ରାଉତ ଓ ଓଡ଼ିଶା ଅଭିଭାବକ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ ହାଇକୋର୍ଟରେ ପୃଥକ ମାମଲା ଦାୟର କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଭି.ନରସିଂହ, ବିଭୂତି ଭୂଷଣ ଚୌଧୁରୀ, ଆଇନଜୀବୀ ରଂଜନ କୁମାର ରାଉତ, ସରକାରଙ୍କ ତରଫରୁ ଆଡଭୋକେଟ ଜେନେରାଲ ଅଶୋକ କୁମାର ପରିଜା, କନଫେଡେରେସନ୍ ଅଫ୍ ଓଡ଼ିଶା ପବ୍ଲିକ୍ ସ୍କୁଲ୍‌ସ୍‌ ତରଫରୁ ବରିଷ୍ଠ ଆଇନଜୀବୀ ବୁଦ୍ଧଦେବ ରାଉତରାୟ ଓ ଅନ୍ୟ ପ୍ରତିପକ୍ଷଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ଅଶୋକ ମହାନ୍ତି ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧିତ ଖବର