କଟକ : ଚିଟ୍ଫଣ୍ତ୍ ଘଟଣାର ତଦନ୍ତ କରୁଥିବା ଜଷ୍ଟିସ୍ ମଦନ ମୋହନ ଦାସ କମିସନ୍ଙ୍କ ବର୍ଦ୍ଧିତ କାର୍ଯ୍ୟକାଳ ୨୦୨୦, ଫେବ୍ରୁଆରି ୪ରେ ଶେଷ ହେବାକୁ ଯାଉଛି। କାର୍ଯ୍ୟକାଳ ବୃଦ୍ଧି ପାଇଁ କମିସନଙ୍କ କାର୍ଯ୍ୟାଳୟ ପକ୍ଷରୁ ଗୃହ ବିଭାଗକୁ କିଛି ଦିନ ତଳେ ଚିଠି ଲେଖାଯାଇଥିବା ବେଳେ ସରକାରଙ୍କ ପକ୍ଷରୁ କିନ୍ତୁ ଏହି ପ୍ରସଂଗରେ ଏ ପର୍ଯ୍ୟନ୍ତ କିଛି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। ଫଳରେ ଚିଟଫଣ୍ଡ ତଦନ୍ତର ଭବିଷ୍ୟତକୁ ନେଇ ଅନିଶ୍ଚିତତା ଦେଖା ଦେଇଛି। ଉଲ୍ଲେଖ ଯୋଗ୍ୟ ଯେ ୨୦୧୯, ଡିସେମ୍ବର ୧୧ରେ ତଦନ୍ତର ଟର୍ମସ୍ ଅଫ୍ ରେଫରେନ୍ସରେ ସରକାର ସଂଶୋଧନ କରିବା ପରେ କମିସନ୍ ବୃହତ ଜମାକରୀଙ୍କ ଚିହ୍ନଟ ବନ୍ଦ ରଖିଥିବା ବେଳେ କ୍ଷୁଦ୍ର ଜମାକାରୀଙ୍କ ଚିହ୍ନଟ ପ୍ରକ୍ରିୟା ସହିତ ତଦନ୍ତ ଜାରି ରଖିଛନ୍ତି। ପୂର୍ବରୁ କମିସନ୍ ସରକାରଙ୍କୁ କ୍ଷୁଦ୍ର ଜମାକାରୀଙ୍କ ପ୍ରସଂଗରେ ୭ଟି ତଦନ୍ତ ରିପୋର୍ଟ ପ୍ରଦାନ କରିଥିବା ବେଳେ ଖୁବ୍ ଶୀଘ୍ର ଆଉ ଏକ ରିପୋର୍ଟ ପ୍ରଦାନ କରିବାକୁ ପ୍ରସ୍ତୁତ ହେଉଥିବା କୁହାଯାଉଥିବା ବେଳେ ଗତ ବର୍ଷ ଦାଖଲ ହୋଇଥିବା ପ୍ରାୟ ୭ ଲକ୍ଷ ସତ୍ୟପାଠର ଡିଜିଟାଇଜେସନ୍ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଏପରି ପରିସ୍ଥିତିରେ କମିସନଙ୍କ କାର୍ଯ୍ୟକାଳ ବୃଦ୍ଧିକୁ ନେଇ ଲାଗି ରହିଥିବା ଅନିଶ୍ଚିତତା ଯୋଗୁଁ ଜମାକରୀ ଆଶଙ୍କା ଭିତରେ ରହିଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ ଚିଟ୍ଫଣ୍ତ୍ ଘଟଣାର ବିଚାରବିଭାଗୀୟ ତଦନ୍ତ ପାଇଁ ୨୦୧୩, ଜୁଲାଇ ୯ରେ ଜଣିକିଆ କମିସନ୍ ଗଠନ କରାଯାଇଥିଲା। ପ୍ରଥମରୁ ୫ଟି ପ୍ରସ˚ଗରେ ତଦନ୍ତ ପାଇଁ କମିସନଙ୍କୁ ଦାୟିତ୍ବ ପ୍ରଦାନ କରାଯାଥିଲା। ଏହାପରେ ପୂର୍ବ ଟର୍ମସ୍ ଅଫ୍ ରେଫରେନ୍ସରେ ଆଉ ଏକ ପ୍ରସଂଗ ଯୋଡି ୨୦୧୫, ଫେବ୍ରୁଆରି ୨୦ରେ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଅତିରିକ୍ତ ଟର୍ମସ୍ ଅଫ ରେଫରେନ୍ସରେ ବେଆଇନ ଅର୍ଥ କାରବାର ଓ ଠକ କମ୍ପାନି ଗୁଡିକ ଦ୍ବାରା ପ୍ରଭାବିତ ହୋଇଥିବା ପ୍ରକୃତ ଜମାକାରୀଙ୍କୁ ଚିହ୍ନଟ ପ୍ରସଂଗରେ ତଦନ୍ତ ଦାୟିତ୍ବ କମିସନଙ୍କୁ ପ୍ରଦାନ କରାଯାଇଥିଲା। ଏବେ ୨୦୧୫, ଫେବ୍ରୁଆରି ୨୦ର ଟର୍ମସ୍ ଅଫ୍ ରେଫରେନ୍ସରେ ସଂଶୋଧନ କରି ସରକାର ୨୦୧୯, ଡିସେମ୍ବର ୧୧ରେ ବିଜ୍ଞପ୍ତି ପ୍ରକାଶ କରିଥିଲେ। ପୂର୍ବରୁ ପ୍ରକୃତ ଜମାକାରୀ (ଇନ୍ଭେଷ୍ଟର)ଙ୍କୁ ଚିହ୍ନଟ କରାଯିବ ବୋଲି ଟର୍ମସ୍ ଅଫ୍ ରେଫରେନ୍ସରେ ରହିଥିଲା। କିନ୍ତୁ ସାନି ପ୍ରକାଶିତ ପରିବର୍ତ୍ତିତ ବା ସଂଶୋଧିତ ବିଜ୍ଞପ୍ତିରେ ଜମାକାରୀ ବଦଳରେ କ୍ଷୁଦ୍ର ଜମାକାରୀ (ସ୍ମଲ୍ ଇନଭେଷ୍ଟର) ବୋଲି ଉଲ୍ଲେଖ କରାଯାଇଥିଲା। ଫଳରେ କମିସନ୍ କେବଳ କ୍ଷୁଦ୍ର ଜମାକାରୀଙ୍କ ଚିହ୍ନଟ କରି ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ସ୍ପଷ୍ଟ ହୋଇଥିଲା। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ୨୦୧୯, ଅଗଷ୍ଟ ୪ରେ କମିସନଙ୍କ ବର୍ଦ୍ଧିତ କାର୍ଯ୍ୟକାଳ ପୂରିବାକୁ ଥିବା ବେଳେ ଅଗଷ୍ଟ ୨ରେ ସରକାର ବିଜ୍ଞପ୍ତି ପ୍ରକାଶ କରି ୬ ମାସ କାର୍ଯ୍ୟକାଳ ବୃଦ୍ଧି କରିଥିଲେ।
ଜଷ୍ଟିସ ଏମ୍.ଏମ୍.ଦାସ କମିସନ୍ : ୪ରେ ଶେଷ ହେବ ବର୍ଦ୍ଧିତ କାର୍ଯ୍ୟକାଳ, ଅନିଶ୍ଚିତତା ଭିତରେ ଚିଟ୍ଫଣ୍ଡ ତଦନ୍ତ
/sambad/media/post_attachments/wp-content/uploads/2019/12/justice-mm-das-commission.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)