କଟକ : ଜଷ୍ଟିସ ମହମ୍ମଦ ରଫିକ ହେବେ ଓଡ଼ିଶା ହାଇକୋର୍ଟର ୩୧ତମ ମୁଖ୍ୟ ବିଚାରପତି। ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ ମହମ୍ମଦ ରଫିକଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯିବା ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ତାଙ୍କ ବଦଳି ପାଇଁ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ ମିଳିବା ପରେ ଆଜି ଆଇନ ମନ୍ତ୍ରଣାଳୟ ବିଜ୍ଞପ୍ତି ପ୍ରକାଶ କରିଛି।
ସୂଚନାଯୋଗ୍ୟ ଯେ ଏପ୍ରିଲ ୧୮ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ପାଇଁ ଜଷ୍ଟିସ ମହମ୍ମଦ ରଫିକଙ୍କ ନାଁ ସୁପାରିସ କରିଥିଲା। ଜଷ୍ଟିସ ରଫିକ ୨୦୧୯, ନଭେମ୍ବର ୧୩ରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପୂର୍ବରୁ ସେ ରାଜସ୍ଥାନ ହାଇକୋର୍ଟରେ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରୁଥିଲେ। ୧୯୬୦, ମେ’୨୫ରେ ସେ ରାଜସ୍ଥାନର ଚୁରୁ ଜିଲ୍ଲାର ସୁଜନଗଡରେ ଜନ୍ମଗ୍ରହଣ କରିଥିଲେ। ୨୦୦୬, ମେ’ ୧୫ରେ ସେ ରାଜସ୍ଥାନ ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ରାଜସ୍ଥାନ ହାଇକୋର୍ଟରେ ବିଚାରପତି ଭାବେ ନିଜ କାର୍ଯ୍ୟକାଳ ଭିତରେ ସେ ଦୁଇ ଥର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ୨୦୧୯, ଏପ୍ରିଲ ୭ରୁ ମେ’ ୪ ଓ ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୫ ପର୍ଯ୍ୟନ୍ତ ସେ ରାଜସ୍ଥାନ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଥିଲେ।