ଭୁବନେଶ୍ବର: ଆଜି ଆଉ ତିନିଟି ଜିଲ୍ଲା ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରି କହିଛନ୍ତି ଯେ ଲକ୍ଷ୍ମୀ ବସ୍ ଆମ ଜୀବନକୁ ସହଜ କରିଛି। ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ୍ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ। ବର୍ତ୍ତମାନ ସୁଦ୍ଧା୯ଟି ଜିଲ୍ଲାରେ ଏହି ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହୋଇଥିବାବେଳେ ଫେବ୍ରୁଆରି ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଯୋଜନାରେ ଏବେ ପଞ୍ଚାୟତରୁ ବ୍ଲକକୁ ବସ୍ ଚାଲୁଥିବାବେଳେ ଏଥିରେ ସାରା ରାଜ୍ୟରେ ହଜାରେ ବସ୍ ଚଲାଇବାକୁ ନିଷ୍ପତ୍ତି ହୋଇଛି। ବସ୍ର ପରିଚାଳନା ଦାୟିତ୍ବ ମିସନ୍ ଶକ୍ତି ମା’ଙ୍କୁ ଦିଆଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗ୍ରାମାଞ୍ଚଳରେ ଗମନାଗମନରେ ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ସମୟରେ ଏ ବିଷୟରେ ଜାଣିବା ପରେ ଲକ୍ଷ୍ମୀ ବସ୍ ଯୋଜନା ଆରମ୍ଭ କରାଗଲା। ଗ୍ରାମାଞ୍ଚଳର ଲୋକମାନେ ସୁବିଧାରେ ଏବଂ କମ୍ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍କୁ ବ୍ୟବହାର କରିପାରିବେ। ଲକ୍ଷ୍ମୀ ବସ୍ ଲୋକଙ୍କୁ ଲୋକଙ୍କ ସହ ଯୋଡ଼ିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ୍ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡ଼ିବ। ମା’ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କାରେ ଏହି ବସ୍ରେ ଯିବା ଆସିବା କରିପାରିବେ।
ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଆଜିଠୁ ଗଡ଼ିଲା
୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତର ୨୭ଲକ୍ଷ ଲୋକ ଉପକୃତ ହେବେ
ଲକ୍ଷ୍ମୀ ବସ୍ ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ
ଏହାସହ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ବିଷୟରେ ଉଲ୍ଲେଖ କରି କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍ ଟିକେଟ ମୂଲ୍ୟ ଅଧା କରାଯାଇଛି। କାର୍ଯ୍ୟକ୍ରମରେ ଦେବଗଡ଼ରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ଢେଙ୍କାନାଳରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ ଯୋଗଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗାଁର ଲୋକମାନେ ସହରର ସୁବିଧା ପାଉଛନ୍ତି। ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳର ଜନଜୀବନକୁ ସୁଗମ କରିଛି। ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବଢ଼ିଛି। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କହିଥିଲେ ଯେ ଲକ୍ଷ୍ମୀ ବସ୍ ହେଉଛି ଆପଣଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ ବସ୍ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଢେଙ୍କାନାଳରେ ବିଧାୟକ ସୁଧୀର କୁମାର ସାମଲ, ଅନୁଗୁଳରେ ବିଧାୟକ ରଜନିକାନ୍ତ ସିଂ, ବ୍ରଜକିଶୋର ପ୍ରଧାନ ଏବଂ ଦେବଗଡ଼ରେ ଜିଲ୍ଲା ପରିଷଦ ସଭାପତି କୌଶିକ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ସ୍ୱାଗତ ଭାଷଣ ଦେଇଥିଲେ। ସୂଚନାଯୋଗ୍ୟ ଯେ ଆଜିର ଶୁଭାରମ୍ଭ ପରେ ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍ ଚାଲିବ। ଏହା ଦ୍ୱାରା ୨୭ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ। ଦେବଗଡ଼ର ୬୯ଟି ପଞ୍ଚାୟତରେ ୧୭ଟି ବସ୍ ଚାଲିବ ଏବଂ ୩ ଲକ୍ଷ ଲୋକ ଉପକୃତ ହେବେ। ଅନୁଗୁଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍ ଚାଲିବ ଏବଂ ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ। ସେହିପରି ଢେଙ୍କାନାଳର ୧୯୫ଟି ପଞ୍ଚାୟତରେ ୫୫ଟି ବସ୍ ଚାଲିବ ଏବଂ ୧୩ ଲକ୍ଷ ଲୋକ ଉପକୃତ ହେବେ।
ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏହାପରେ ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କୋରାପୁଟରେ ଏହି ବସ୍ ସେବା ଆରମ୍ଭ ହୋଇଛି।