ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ଜାରି ରହିବ ପ୍ରବଳ ବର୍ଷା

Advertisment
୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ରହିଛି ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଜି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆସନ୍ତା ୩ ଦିନ ମଧ୍ୟ ବର୍ଷା ଜାରି ରହିବ। ଗତ ୨ ଦିନ ତଳେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଉପକୂଳରେ ରହିଥିବାରୁ କାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସହ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ଅସନ୍ତାକାଲି (ରବିବାର) ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ଏଥିସହ ୭ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ଏମିତି ବର୍ଷା ଲାଗି ରହିବ ଓ ସ୍ଥାନେ ସ୍ଥାନେ ଅତିପ୍ରବଳ ବର୍ଷା ହେବ। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ଆର୍‌ ବିଶ୍ବାସ କହିଛନ୍ତି ଯେ ଗତକାଲି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଲଘୁଚାପ ବଳୟଟି ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳରେ ରହିଛି। ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ଓ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏଥିସହ ଦକ୍ଷିଣ ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ ବି ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧିପାଇବ। ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ହେଲା, ଗଞ୍ଜାମ, କୋରାପୁଟ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ, ଦେବଗଡ଼, ଗଜପତି ଓ ସୋନପୁର। ସେହିପରି ୫ ତାରିଖରେ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ବ‌ାଲେଶ୍ବର, ଭଦ୍ରକ, କୋରାପୁଟ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବ। ୭ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। କୋରାପୁଟ, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରେ ୬ ତାରିଖ ଅପରାହ୍ନରୁ ବର୍ଷା ଆରମ୍ଭ ହୋଇଯିବ।

ଗତ ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲାରେ ସାମାନ୍ୟ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି। ସର୍ବାଧିକ ବର୍ଷା ବାଲେଶ୍ବର ଜିଲ୍ଲା ରେମୁଣାଠାରେ ହୋଇଯାଇଛି। ଏଠାରେ ୯୭.୦ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନୀଳଗିରିରେ ୮୫.୦ ମିମି ବର୍ଷା ହୋଇଛି। ବାଲେଶ୍ବରରେ ୮୪.୪ ମିମି ବର୍ଷା ହୋଇଛି। ଉତ୍ତର ଉପକୂଳ ସମେତ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ସର୍ବାଧିକ ରହିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe