ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉକ୍ତ ସ୍ଥାନରେ ଆଜି ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୭.୬ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ ହେବା ସହ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯା‌ଇଛି। ଜଳବନ୍ଦୀ ସମସ୍ୟାଠାରୁ ଆରମ୍ଭ କରି ଅକସ୍ମାତ୍‌ ବନ୍ୟା, ଭୂ-ସ୍ଖଳନ ଆଦି ପରିସ୍ଥିତି ପାଇଁ ଅଗ୍ନିଶମ ବିଭାଗର ସହାୟତା ଲୋଡ଼ିବା ସହ ସମସ୍ତ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ବତନ୍ତ୍ର ରିଲିଫ୍ କମିସନର୍‌(ଏସ୍‌ଆର୍‌ସି) ପ୍ରଦୀପ ଜେନା ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପ୍ରବଳ ବର୍ଷା ହେବାକୁ ଥିବା ଅଞ୍ଚଳଗୁଡ଼ିକ ଉପରେ ନଜର ରଖିବାକୁ କହିଛନ୍ତି। ଏଥିସହ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Advertisment

କେନ୍ଦ୍ରର ସୂଚନା ମୁତାବକ, ରାଜ୍ୟରେ ଆସନ୍ତା ୫ ତାରିଖ ଯାଏଁ ବର୍ଷା ଲାଗି ରହିବ। ଆସନ୍ତାକାଲି ଉପକୂଳ ସମେତ ପଶ୍ଚିମ ଓଡ଼ିଶାର କେ‌ତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ବିଶେଷକରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, କେଉଁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଓ କନ୍ଧମାଳ ଆଦି ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାପରେ ୩ ତାରିଖଠାରୁ ବର୍ଷାର ପରିମାଣ ବଢ଼ିବ। କେନ୍ଦୁଝର, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ଢେଙ୍କାନାଳ ଓ କଟକରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। ଏନେଇ ସତର୍କ ରହିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯିବା ସହ ‌ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ସୋନପୁର, ସମ୍ବଲପୁର, ନୂଆପଡ଼ା, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ଏସବୁ ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୪ ତାରିଖ ଦିନ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ସୋନପୁର, ସମ୍ବଲପୁର, ନୂଆପଡ଼ା, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ‌ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୫ ତାରିଖରୁ ୬ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଏବଂ କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, କଟକ, ଯାଜପୁର, ଭଦ୍ରକ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।