୨ରେ ଲଘୁଚାପ, ୫ ଯାଏ ବର୍ଷା : ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଛି। ଏହାର ପ୍ରଭାବରେ ଶୁକ୍ରବାର ରାତି ଓ ଶନିବାର ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୨ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ ବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼, ବିଦର୍ଭରେ ୪ରୁ ୫ ଦିନ ଧରି ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେପ୍ଟେମ୍ବର ୧ରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ସ୍ଥାନେ ସ୍ଥାନେ ୭୦ରୁ ୮୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ତାହାକୁ ଦୃଷ୍ଟିରେ ରଖି ୧ରୁ ୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ। ଏହି ସମୟରେ କେନ୍ଦ୍ରୀୟ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତର ଆଶଙ୍କା ରହିଛି। ‌୧ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ଯଥା ମାଲକାନଗିରି, ‌କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ପୁରୀ, କଟକ, ନୂଆପଡ଼ା ଓ ବଲାଙ୍ଗିରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ। ୩ ଓ ୪ ତାରିଖରେ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ଅଧିକାଂଶ ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର