ଭୁବନେଶ୍ବର: ଗତକାଲିର ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରର ସମାନ ଅଞ୍ଚଳରେ ଆଜି ଗୁରୁବାର ରାତି ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଦିନତମାମ୍ ବର୍ଷା ଜାରି ରହିଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନ ଯଥା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଣୁ ଏହି ୭ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୯ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ତେବେ ଅତ୍ୟଧିକ ବର୍ଷା ଯୋଗୁଁ ମାଟି କାନ୍ଥ, କଚ୍ଚା ଘର ଓ ରାସ୍ତା କ୍ଷତିଗ୍ରସ୍ତ ହୋଇପାରେ। ସେହିଭଳି ସାମୟିକ ସମୟ ପାଇଁ ତଳୁଆ ଅଞ୍ଚଳରେ ପାଣି ଜମି ରହିବାର ସମ୍ଭାବନା ରହିଛି। ଏଣୁ ଚାଷ ଜମିରୁ ଜଳ ନିଷ୍କାସନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସୂଚନା ଜାରି ହୋଇଛି। ଏଥିସହ ତଳୁଆ ଚାଷ ଜମିରେ ସାର ଓ ରସାୟନିୟ ଔଷଧ ପ୍ରୟୋଗକୁ ସାମୟିକ ସମୟ ପାଇଁ ସ୍ଥଗିତ ରଖିବାକୁ ପରାମର୍ଶ ଦିଆଯାଇଛି। ଅସୁରକ୍ଷିତ ପାହାଡ଼ିଆ ଅଞ୍ଚଳ ଯଥା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ କିଛି ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ଏଥିସହ ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ସମ୍ଭାବନା ଥିବାରୁ ସତର୍କ ରହିବାକୁ କୁହାଯାଇଛି। ଶୁକ୍ରବାର ରାଜଧାନୀ ଭୁବନେଶ୍ବର ଓ ଆଖପାଖ ଅଞ୍ଚଳର ପାଗ ସମ୍ପୂର୍ଣ୍ଣ ମେଘୁଆ ରହିବ। ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/07/rain-3964186_960_720.jpg)