ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଓ ତତ୍ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ରବିବାର ଅପରାହ୍ଣରେ କଟକ, ଭୁବନେଶ୍ବର ସମେତ ରାଜ୍ୟର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ତଥା ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଫଳରେ ଆସନ୍ତାକାଲିଠାରୁ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ।
ଆଜି(ସୋମବାର) ରାଜ୍ୟର ୪ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ବିଶେଷକରି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଅଞ୍ଚଳର ସମ୍ବେଦନଶୀଳ ସ୍ଥାନରେ ମାଟି ଧସିବା, ଚାଷ ଜମିରେ ପାଣି ଜମିବା, ମାଟି ଘର ଭାଙ୍ଗିବା ଓ ରାସ୍ତା ଧୋଇଯିବାର ଆଶଙ୍କା ରହିଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ପାଣିପାଗ କେନ୍ଦ୍ର କହିଛି, ଏହି ୪ଜିଲ୍ଲା ବ୍ୟତୀତ ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଖୋର୍ଧା, କଟକ, ଜଗତସିଂହପୁର, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୨୦ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ। ସାଧାରଣତଃ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଣୁ ଏସବୁ ଜିଲ୍ଲା ପାଇଁ ବି ଅରେଞ୍ଜ ୱାର୍ଣ୍ଣିଂ ଜାରି ହେବା ସହ ରାଜ୍ୟର ଅବଶିଷ୍ଟ ଜିଲ୍ଲାଗୁଡ଼ିକରେ ଭାରୀ ବର୍ଷା ସମ୍ଭାବନା ରହିଛି। ୨୧ତାରିଖ ଦିନ ବି ରାଜ୍ୟରେ ଭାରୀ ବର୍ଷା ଜାରି ରହିବ। ୨୨ରୁ ବର୍ଷା କମିବ। ଆଜି ରାଜଧାନୀ ଭୁବନେଶ୍ବର ଓ ସଂଲଗ୍ନ ଅଞ୍ଚଳଗୁଡ଼ିକର ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି। ଦିନର ସର୍ ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ୨୫ଡିଗ୍ରି ମଧ୍ୟରେ ରହିବ।