ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନଠାରୁ ୪.୫ କିମି ଉଚ୍ଚତାରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବ। ଫଳରେ ରାଜ୍ୟରେ ୭ ତାରିଖରୁ ପ୍ରବଳରୁ ଅତିପ୍ରବଳ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ଅନ୍ୟପଟେ ମୌସୁମୀଜନିତ ନିମ୍ନ ଚାପରେଖା ବିକାନେର, ଶିବପୁରୀ, ଜବଲପୁର, ରାୟପୁର ଓ ଭୁବନେଶ୍ବର ହୋଇ ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରୁଛି। ଏହା ପ୍ରଭାବରେ ଆଜି ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ୬ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଅନୁଗୁଳ, ଖୋର୍ଧା, ନୟାଗଡ଼, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୭ ତାରିଖରୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। ୭ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ। ପୁରୀ, ଗଞ୍ଜାମ, ଗଜପତି, ଜଗତସିଂହପୁର, ମାଲକାନଗିରି, କୋରାପୁଟ ଜିଲ୍ଲାରେ ସେ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷିବ। ଏଣୁ ଏହି ୬ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ସୋନପୁର, ବରଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗୁରୁବାର ଅପରାହ୍ନ ଆଡ଼କୁ ରାଜଧାନୀ ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳରେ ବର୍ଷା ହୋଇଯାଇଥିବା ବେଳେ ଆଜି(ଶୁକ୍ରବାର) ମଧ୍ୟ ଅପରାହ୍ନ ଆଡ଼କୁ ବର୍ଷା ସମ୍ଭାବନା ରହିଛି। ଏଥିସହ ରାଜଧାନୀର ସର୍ବୋଚ୍ଚ ଦିନ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।